Bible Explorer ଆପ୍ ପାଆନ୍ତୁ

ବାଇବେଲ › ଆୟୁବ › 26

IRV · ଅଧ୍ୟାୟ 26 / 42

ଆୟୁବ 26

1ତହିଁରେ ଆୟୁବ ଉତ୍ତର କରି କହିଲା,

2“ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ!

3ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ!

4ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା?”

5“ବିଲ୍‍ଦଦ୍‍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି।

6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ବିନାଶ ସ୍ଥାନର କୌଣସି ଆବରଣ ନାହିଁ।

7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକୁ ଝୁଲାନ୍ତି।

8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ।

9ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି।

10ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି।

11ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି।

12ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି।

13ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି।

14ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍‍ କ୍ଷୀଣ ସ୍ୱର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?”

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org