Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 144

IRV · ଅଧ୍ୟାୟ 144 / 150

ଗୀତସଂହିତା 144

1ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।

2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।

3ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?

4ମନୁଷ୍ୟ ଅସାର ବସ୍ତୁ ତୁଲ୍ୟ; ତାହାର ଦିନସବୁ ବହିଯିବା ଛାୟା ତୁଲ୍ୟ।

5ହେ ସଦାପ୍ରଭୋ, ଆପଣା ଗଗନମଣ୍ଡଳ ନୁଆଁଇ ତଳକୁ ଆସ; ପର୍ବତଗଣକୁ ସ୍ପର୍ଶ କର, ତହିଁରେ ସେମାନେ ଧୂମ ନିର୍ଗତ କରିବେ।

6ବିଜୁଳି ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କର; ଆପଣା ତୀର ମାରି ସେମାନଙ୍କୁ ପରାସ୍ତ କର।

7ଊର୍ଦ୍ଧ୍ୱରୁ ଆପଣା ହସ୍ତ ବଢ଼ାଅ; ମୋତେ ରକ୍ଷା କର, ମହାଜଳରାଶିରୁ ମୋତେ ଉଦ୍ଧାର କର; ପୁଣି, ଯେଉଁମାନଙ୍କ ମୁଖ ଅସାର କଥା କହଇ

8ଓ ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି।

10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।

11ମୋତେ ରକ୍ଷା କର ଓ ଯେଉଁମାନଙ୍କର ମୁଖ ଅସାର କଥା କହଇ, ପୁଣି, ଯେଉଁମାନଙ୍କ ଦକ୍ଷିଣ ହସ୍ତ ଅସତ୍ୟର ଦକ୍ଷିଣ ହସ୍ତ, ଏପରି ବିଦେଶୀୟମାନଙ୍କ ହସ୍ତରୁ ମୋତେ ଉଦ୍ଧାର କର।

12ଯେତେବେଳେ ଆମ୍ଭମାନଙ୍କ ପୁତ୍ରଗଣ ଯୌବନାବସ୍ଥାରେ ବୃକ୍ଷର ଚାରା ତୁଲ୍ୟ ବର୍ଦ୍ଧନଶୀଳ ହେବେ ଓ ଆମ୍ଭମାନଙ୍କ କନ୍ୟାଗଣ ଅଟ୍ଟାଳିକାର ଗଠନାନୁସାରେ ଖୋଦିତ କୋଣ-ପ୍ରସ୍ତର ତୁଲ୍ୟ ହେବେ;

13ଆମ୍ଭମାନଙ୍କ ଭଣ୍ଡାରସବୁ ପରିପୂର୍ଣ୍ଣ; ସର୍ବପ୍ରକାର ଦ୍ରବ୍ୟବିଶିଷ୍ଟ ହେବ; ଆମ୍ଭମାନଙ୍କ ମେଷଗଣ ଆମ୍ଭମାନଙ୍କ କ୍ଷେତ୍ରରେ ସହସ୍ର ସହସ୍ର ଓ ଅୟୁତ ଅୟୁତ ଶାବକ ପ୍ରସବ କରିବେ;

14ଆମ୍ଭମାନଙ୍କ ବଳଦସବୁ ଉତ୍ତମ ରୂପେ ବୋଝାଇ ହେବେ; କୌଣସି ଭଗ୍ନଦଶା ଓ ବହିର୍ଗମନ ଘଟିବ ନାହିଁ, ପୁଣି, ଆମ୍ଭମାନଙ୍କ ଛକସ୍ଥାନରେ କୌଣସି କୋଳାହଳ ହେବ ନାହିଁ;

15ଏହିପରି ଅବସ୍ଥାପନ୍ନ ଗୋଷ୍ଠୀ ଧନ୍ୟ; ହଁ, ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ!

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org