Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 146

IRV · ଅଧ୍ୟାୟ 146 / 150

ଗୀତସଂହିତା 146

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ମୋହର ମନ, ସଦାପ୍ରଭୁଙ୍କର ପ୍ରଶଂସା କର।

2ମୁଁ ବଞ୍ଚିଥିବା ଯାଏ ସଦାପ୍ରଭୁଙ୍କର ପ୍ରଶଂସା କରିବି; ଯେପର୍ଯ୍ୟନ୍ତ ମୋହର କୌଣସି ସତ୍ତା ଥାଏ, ସେପର୍ଯ୍ୟନ୍ତ ମୁଁ ଆପଣା ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।

3ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ-ସନ୍ତାନ ଉପରେ ନିର୍ଭର କର ନାହିଁ।

4ତାହାର ନିଃଶ୍ୱାସ ବାହାରି ଯାଏ, ସେ ନିଜ ମୃତ୍ତିକାକୁ ଫେରିଯାଏ; ସେହି ଦିନ ତାହାର ସଂକଳ୍ପସବୁ ନଷ୍ଟ ହୁଏ।

5ଯାକୁବର ପରମେଶ୍ୱର ଯାହାର ସାହାଯ୍ୟ ସ୍ୱରୂପ, ସଦାପ୍ରଭୁ ଆପଣା ପରମେଶ୍ୱର ଯାହାର ଆଶାଭୂମି, ସେ ଲୋକ ଧନ୍ୟ;

6ସେ ଆକାଶମଣ୍ଡଳ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ନିର୍ମାଣ କଲେ; ସେ ସଦାକାଳ ସତ୍ୟ ପାଳନ କରନ୍ତି;

7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।

8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି।

9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।

10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org