Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 33

IRV · ଅଧ୍ୟାୟ 33 / 150

ଗୀତସଂହିତା 33

1ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।

2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।

3ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।

4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।

5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;

6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।

7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।

8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।

9ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।

10ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।

11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।

12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।

13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;

14ସେ ଆପଣା ନିବାସ-ସ୍ଥାନରୁ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;

15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।

16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ୱାରା ଉଦ୍ଧାର ପାଏ ନାହିଁ।

17ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।

18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,

19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।

20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।

21ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।

22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org