ମୁଖ୍ୟ ପୃଷ୍ଠା › ମଣ୍ଡଳୀ ବର୍ଷର ପର୍ବ › ବଡ଼ଦିନ
ମଣ୍ଡଳୀ ବର୍ଷର ପର୍ବ
ବଡ଼ଦିନ
ମାଥିଉ ଓ ଲୂକ କହିଥିବା ଅନୁସାରେ ଯୀଶୁଙ୍କ ଜନ୍ମ, ଯିଶାଇୟଙ୍କ ଭବିଷ୍ୟଦ୍ବାଣୀ ଓ ଯୋହନଙ୍କ ସୁସମାଚାରର ଆରମ୍ଭ ସହିତ, ସମ୍ପୂର୍ଣ୍ଣ। ପାଶ୍ଚାତ୍ୟ ମଣ୍ଡଳୀ 25 ଡିସେମ୍ବରରେ ବଡ଼ଦିନ ପାଳନ୍ତି; ଜୁଲିଆନ୍ ପଞ୍ଜିକାର ଅର୍ଥୋଡକ୍ସ ମଣ୍ଡଳୀ 7 ଜାନୁଆରୀରେ।
ତାରିଖ
| ବର୍ଷ | ପାଶ୍ଚାତ୍ୟ ମଣ୍ଡଳୀବଡ଼ଦିନ | ଅର୍ଥୋଡକ୍ସ ମଣ୍ଡଳୀଖ୍ରୀଷ୍ଟଙ୍କ ଜନ୍ମ |
|---|---|---|
| 2026 | 25 ଡିସେମ୍ବର 2026ଶୁକ୍ରବାର | 7 ଜାନୁଆରୀ 2027ଗୁରୁବାର |
| 2027 | 25 ଡିସେମ୍ବର 2027ଶନିବାର | 7 ଜାନୁଆରୀ 2028ଶୁକ୍ରବାର |
| 2028 | 25 ଡିସେମ୍ବର 2028ସୋମବାର | 7 ଜାନୁଆରୀ 2029ରବିବାର |
| 2029 | 25 ଡିସେମ୍ବର 2029ମଙ୍ଗଳବାର | 7 ଜାନୁଆରୀ 2030ସୋମବାର |
| 2030 | 25 ଡିସେମ୍ବର 2030ବୁଧବାର | 7 ଜାନୁଆରୀ 2031ମଙ୍ଗଳବାର |
ଏକ ତାରିଖ ଅର୍ଥୋଡକ୍ସ କିମ୍ବା କାଥଲିକ୍ ପଞ୍ଜିକାରେ ସେହି ଦିନର ପାଠ ଖୋଲେ।
ଅର୍ଥୋଡକ୍ସ ତାରିଖ ଜୁଲିଆନ୍ ପଞ୍ଜିକା ଅନୁସାରେ, ଯାହାକୁ ରୁଷ, ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ମାନନ୍ତି: ସେମାନଙ୍କ ସ୍ଥିର ତାରିଖର ପର୍ବ ନାଗରିକ ପଞ୍ଜିକାରେ 13 ଦିନ ପରେ ପଡ଼େ। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ ଓ ଅନ୍ୟ) 25 ଡିସେମ୍ବରରେ ବଡ଼ଦିନ ପାଳନ୍ତି; ପାସ୍କା ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ପ୍ରାୟ ସମସ୍ତ ଅର୍ଥୋଡକ୍ସ ମଣ୍ଡଳୀରେ ସମାନ ଭାବେ ଗଣାଯାଏ।
ବାଇବେଲ ଅଂଶ
ଯିଶାଇୟ
2ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହା ଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି। 3ତୁମ୍ଭେ ସେହି ଦେଶୀୟ ଲୋକଙ୍କୁ ବହୁସଂଖ୍ୟକ କରି ସେମାନଙ୍କର ଆନନ୍ଦ ବୃଦ୍ଧି କରିଅଛ; ସେମାନେ ଶସ୍ୟ ଛେଦନର ଆନନ୍ଦ ପ୍ରାୟ ଆନନ୍ଦ କରନ୍ତି, ଲୁଟିତ ବିଭାଗ କରିବା ସମୟର ତୁଲ୍ୟ ଉଲ୍ଲାସିତ ହୁଅନ୍ତି, 4କାରଣ ମିଦୀୟନର ଦିନରେ ଯେପରି, ସେହିପରି ତୁମ୍ଭେ ତାହାର ଭାର ସ୍ୱରୂପ ଯୁଆଳି ଓ ତାହାର ସ୍କନ୍ଧସ୍ଥିତ ବାହୁଙ୍ଗି, ତାହାର ଉପଦ୍ରବକାରୀର ଦଣ୍ଡ ଭାଙ୍ଗି ପକାଇଅଛ। 5ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ। 6କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ। 7ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
ମାଥିଉ
18ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା। ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା। 19ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ। 20କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି। 21ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।” 22ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା, 23“ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ବର।” 24ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ; 25କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।
ଲୂକ
1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। 2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା। 3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ। 4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ; 5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ। 6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା, 7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା। 8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ। 9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ। 10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି, 11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ। 12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ। 13ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, 14“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।” 15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା। 16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ। 17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, 18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ। 19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। 20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
ମାଥିଉ
1ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ, 2“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।” 3ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ; 4ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ। 5ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି, 6“ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।” 7ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ। 8ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।” 9ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ; ଆଉ ଦେଖ, ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ, ତାହା ସେମାନଙ୍କ ଆଗେ ଆଗେ ଯାଇ, ଯେଉଁଠାରେ ଶିଶୁ ଥିଲେ, ଶେଷରେ ସେହି ସ୍ଥାନ ଉପରେ ରହିଗଲା। 10ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ, 11ଆଉ, ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରୀୟମଙ୍କ ସଙ୍ଗରେ ଦେଖି, ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଏବଂ ଆରାଧନା କଲେ, ପୁଣି, ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା, କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ। 12ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ।
ଯୋହନ
1ସୃଷ୍ଟିର ପୂର୍ବରୁ ବାକ୍ୟ ଥିଲେ, ବାକ୍ୟ ଈଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ବର ଥିଲେ। 2ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। 3ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। 4ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ। 5ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ। 6ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। 7ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 8ସେ ନିଜେ ସେହି ଜ୍ୟୋତିଃ ନ ଥିଲେ, କିନ୍ତୁ ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ। 9ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ। 10ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। 11ସେ ଆପଣା ରାଜ୍ୟକୁ ଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 12ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; 13ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ବରଙ୍କଠାରୁ ଜାତ ହେଲେ। 14ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
କଳାରେ
ମେଷପାଳକମାନଙ୍କ ଆରାଧନାଜର୍ଜୋନେ · 1505/1510
ପଣ୍ଡିତମାନଙ୍କ ଆରାଧନାଫ୍ରା ଆଞ୍ଜେଲିକୋ ଓ ଫ୍ରା ଫିଲିପ୍ପୋ ଲିପ୍ପି · c. 1440/1460
ତାରା ପଣ୍ଡିତମାନଙ୍କୁ ବାଟ ଦେଖାଏଗୁସ୍ତାଭ୍ ଡୋରେ · 1866
ଯୀଶୁଙ୍କ ଜନ୍ମଡ୍ୟୁରର୍ · c. 1502–3
ପଣ୍ଡିତମାନଙ୍କ ଆରାଧନାଡ୍ୟୁରର୍ · c. 1501–1503
ଯୀଶୁଙ୍କ ଜନ୍ମଡ୍ୟୁରର୍ · 1504
ପଣ୍ଡିତମାନଙ୍କ ଆରାଧନାଲୁକାସ୍ ଭାନ୍ ଲେଡେନ୍ · 1513
ସୁସମାଚାର ପୁସ୍ତକରୁ କଟା ଏକ ପୃଷ୍ଠା: ଯୀଶୁଙ୍କ ଜନ୍ମ (recto)ଅଜ୍ଞାତ ଚିତ୍ରକର, ହେଲମାରସହାଉଜେନ୍ · c. 1190
ମେଷପାଳକମାନଙ୍କ ନିକଟରେ ଘୋଷଣା (Ms. 125, fol. 7, ଇର୍ମେନଗାର୍ଡ କୋଡେକ୍ସରୁ)ଅଜ୍ଞାତ ଜର୍ମାନ ଚିତ୍ରକର · after 1053
ପଣ୍ଡିତମାନଙ୍କ ଆରାଧନା (Ms. Ludwig VII 1, fol. 25v, ଆଶୀର୍ବାଦ-ପୁସ୍ତକରୁ)ଅଜ୍ଞାତ ଚିତ୍ରକର, ରେଗେନ୍ସବର୍ଗ · c. 1030–1040
ମେଷପାଳକମାନଙ୍କୁ ଦୂତଙ୍କ ଦର୍ଶନରେମ୍ବ୍ରାଣ୍ଟ · 1634
ମେଷପାଳକମାନଙ୍କ ଆରାଧନା: ପ୍ରଦୀପ ସହିତରେମ୍ବ୍ରାଣ୍ଟ · c. 1654
ଆହୁରି ପର୍ବ
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର