Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ

ପାଖାପାଖି ସୁସମାଚାର · ଯିରୂଶାଲମରେ

କେଉଁ ଅଧିକାରରେ?

ମାଥି 21:23–27 · ମାର୍କ 11:27–33 · ଲୂକ 20:1–8

ମାଥିଉ

ମାଥି 21:23–27

23ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?

24ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ଯଦି ତୁମ୍ଭେମାନେ ମୋତେ ତାହା କହିବ, ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି।

25ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

26କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।

27ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ସେ ମଧ୍ୟ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ମାର୍କ

ମାର୍କ 11:27–33

27ପରେ ସେମାନେ ପୁନର୍ବାର ଯିରୂଶାଲମ ସହରକୁ ଆସିଲେ; ଆଉ ସେ ମନ୍ଦିର ମଧ୍ୟରେ ଭ୍ରମଣ କରୁଥିବା ସମୟରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ,

28ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଅବା ଏହାସବୁ କରିବାକୁ ତୁମ୍ଭକୁ କିଏ ଏହି ଅଧିକାର ଦେଲା?

29କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ ଉତ୍ତର ଦିଅ, ତାହାହେଲେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ତୁମ୍ଭମାନଙ୍କୁ କହିବି।

30ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା? ମୋତେ ଉତ୍ତର ଦିଅ।”

31ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

32ଅବା ମନୁଷ୍ୟଠାରୁ ବୋଲି କଅଣ କହିବା? ସେମାନେ ଲୋକସମୂହକୁ ଭୟ କରୁଥିଲେ; କାରଣ ସମସ୍ତେ ଯୋହନଙ୍କୁ ପ୍ରକୃତରେ ଜଣେ ଭାବବାଦୀ ବୋଲି ମାନୁଥିଲେ।

33ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଜାଣୁ ନାହୁଁ। ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ଲୂକ

ଲୂକ 20:1–8

1ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,

2ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ, ଅବା, ଯେ ତୁମ୍ଭକୁ ଏ ଅଧିକାର ଦେଲା, ସେ କିଏ, ଆମ୍ଭମାନଙ୍କୁ କୁହ?

3କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି, ମୋତେ କୁହ,

4ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ଥିଲା?”

5ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ କହିବେ, ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?

6କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ।

7ଏଣୁ ତାହା କେଉଁଠାରୁ ହେଲା, ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ।

8ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର