15କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା।
16ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା।
17ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?
18କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ।
19ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।
20ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ।
21ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ।
22ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।
23ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
24ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରିପାରୁ ନାହାନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ।
25ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।
26ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।