Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଯୀଶୁ ଓ ବାଲ୍‌ଜିବୂଲ୍

ମାଥି 12:22–30 · ମାର୍କ 3:20–27 · ଲୂକ 11:14–23

ମାଥିଉ

ମାଥି 12:22–30

22ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।

23ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?

24ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍‌ଜିବୂଲ୍‍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।

25କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।

26ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?

27ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।

28କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

29ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।

30ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।

ମାର୍କ

ମାର୍କ 3:20–27

20ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରିପାରିଲେ ନାହିଁ।

21ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି।

22ଆଉ, ଯିରୂଶାଲମ ସହରରୁ ଆସିଥିବା ଶାସ୍ତ୍ରୀମାନେ କହିଲେ, ଏହାକୁ ବାଲ୍‌ଜିବୂଲ୍ ଲାଗିଛି, ପୁଣି, ଭୂତପତିର ସାହାଯ୍ୟରେ ସେ ଭୂତ ଛଡ଼ାଏ।

23ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?

24ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହି ପାରେ ନାହିଁ।

25ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ।

26ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି।

27ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରିପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ।

ଲୂକ

ଲୂକ 11:14–23

14ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ, ସେହି ଭୂତଟା ଘୁଙ୍ଗା। ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା; ସେଥିରେ ଲୋକସମୂହ ଚକିତ ହେଲେ।

15କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ।

16ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।

17କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ଉତ୍ସନ୍ନ ହୋଇ ଯାଏ, ପୁଣି, ଗୃହ ଗୃହ ଉପରେ ପଡ଼େ।

18ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ, ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ? ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ।

19କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି? ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।

20କିନ୍ତୁ ମୁଁ ଯଦି ଈଶ୍ବରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।

21ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ, ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ;

22କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ, ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା, ସେହିସବୁ ସେ ଛଡ଼ାଇ ନିଏ, ପୁଣି, ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ।

23ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ; ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର