Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ

ପାଖାପାଖି ସୁସମାଚାର · ଦୁଃଖଭୋଗ

ବେଥନୀୟାରେ ଯୀଶୁଙ୍କ ଅଭିଷେକ

ମାଥି 26:6–13 · ମାର୍କ 14:3–9 · ଯୋହ 12:1–8

ମାଥିଉ

ମାଥି 26:6–13

6ଯୀଶୁ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଥିବା ସମୟରେ,

7ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।

8କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ, ଏତେ ଅପବ୍ୟୟ କାହିଁକି?

9ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।

10ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, “କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ? ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି।

11ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି।

12ଆଉ, ସେ ମୋହର ସମାଧି-କ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି।

13ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”

ମାର୍କ

ମାର୍କ 14:3–9

3ସେ ବେଥନୀୟାରେ କୁଷ୍ଠରୋଗରୁ ସୁସ୍ଥ ପାଇଥିବା ଶିମୋନଙ୍କ ଗୃହରେ ଭୋଜନରେ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଆଣି ସେହି ପାତ୍ର ଭାଙ୍ଗି ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ।

4କିନ୍ତୁ କେତେକ ଲୋକ ବିରକ୍ତ ହୋଇ ପରସ୍ପରକୁ କହିଲେ, ତୈଳ କାହିଁକି ଏପରି ନଷ୍ଟ ହେଲା?

5ଏହି ତୈଳ ତ ତିନିଶହ ଦିନର ମଜୁରୀ ସମାନ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକକୁ ଗାଳି କରିବାକୁ ଲାଗିଲେ।

6କିନ୍ତୁ ଯୀଶୁ କହିଲେ, “ତାହାକୁ ଛାଡ଼ିଦିଅ; କାହିଁକି ତାହାକୁ କଷ୍ଟ ଦେଉଅଛ? ସେ ମୋ ପ୍ରତି ଉତ୍ତମ କର୍ମ କରିଅଛି।

7କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରିପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।

8ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।

9ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଜଗତର ଯେକୌଣସି ସ୍ଥାନରେ ସୁସମାଚାର ଘୋଷଣା କରାଯିବ, ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ।”

ଯୋହନ

ଯୋହ 12:1–8

1ଇତିମଧ୍ୟରେ ଯୀଶୁ ନିସ୍ତାର ପର୍ବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଆସିଲେ; ଯେଉଁ ଲାଜାରଙ୍କୁ ସେ ମୃତମାନଙ୍କ ମଧ୍ୟରୁ ଉଠାଇଥିଲେ, ସେ ସେହି ସ୍ଥାନରେ ଥିଲେ।

2ତେଣୁ ସେମାନେ ତାହାଙ୍କ ନିମନ୍ତେ ସେହି ସ୍ଥାନରେ ଗୋଟିଏ ରାତ୍ରିଭୋଜ ପ୍ରସ୍ତୁତ କଲେ; ମାର୍ଥା ପରିଚର୍ଯ୍ୟା କରୁଥିଲେ, ଆଉ ଯେଉଁମାନେ ତାହାଙ୍କ ସହିତ ଭୋଜନରେ ବସିଲେ, ଲାଜାର ସେମାନଙ୍କ ମଧ୍ୟରୁ ଜଣେ ଥିଲେ।

3ସେତେବେଳେ ମରୀୟମ ଅଧ ସେର ଅତି ବହୁମୂଲ୍ୟ ବିଶୁଦ୍ଧ ଜଟାମାଂସୀ ସୁଗନ୍ଧି ତୈଳ ଘେନି ଯୀଶୁଙ୍କ ପାଦରେ ତାହା ଲଗାଇ ଆପଣା କେଶରେ ତାହାଙ୍କ ପାଦ ପୋଛିଦେଲେ, ଆଉ ତୈଳର ସୁବାସରେ ଘରଟି ମହକିଗଲା।

4କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,

5ଏହି ତୈଳ ତିନିଶହ ଦିନର ମଜୁରୀ ସମାନ ମୂଲ୍ୟରେ ବିକ୍ରୟ କରାଯାଇ କାହିଁକି ଦରିଦ୍ରମାନଙ୍କୁ ଦିଆ ନ ଗଲା?

6ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା।

7ସେଥିରେ ଯୀଶୁ କହିଲେ, “ଏହାକୁ ଛାଡ଼ିଦିଅ, ଯେପରି ମୋହର ସମାଧି ଦିନ ନିମନ୍ତେ ସେ ଏହା ରଖି ପାରେ।

8ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର