32ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବୋହିବା ପାଇଁ ତାହାଙ୍କୁ ବାଧ୍ୟ କଲେ।
33ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ
34ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।
35ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,
36ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ।
37ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ।
38ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ।
39ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
40ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
41ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ,
42ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା।
43ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର।
44ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।