1ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
2ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
3ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା,
4ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
5କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
6ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ।
7ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
8ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ।
9ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ।
10ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”