1ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।
2“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।
3ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।”
4ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,
5ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।
6ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ,
7ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।
8ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ।
9ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା।
10ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା।
11ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।