Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ

ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ

ଅଶୁଚି ଆତ୍ମା ଲାଗିଥିବା ବାଳକ

ମାଥି 17:14–20 · ମାର୍କ 9:14–29 · ଲୂକ 9:37–43

ମାଥିଉ

ମାଥି 17:14–20

14ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା,

15ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।

16ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ।

17ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।”

18ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।

19ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।

20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।

ମାର୍କ

ମାର୍କ 9:14–29

14ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।

15ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।

16ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?

17ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;

18ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

19ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।

20ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।

21ସେତେବେଳେ ଯୀଶୁ ତାହାର ପିତାକୁ ପଚାରିଲେ, କେତେ ଦିନ ହେଲା ଏହାକୁ ଏପରି ହୋଇଅଛି? ସେ କହିଲା, ପିଲାକାଳରୁ;

22ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।

23ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।

24ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।

25ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।

26ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।

27କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।

28ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?

29ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।

ଲୂକ

ଲୂକ 9:37–43

37ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ।

38ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋʼ ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;

39ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।

40ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

41ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”

42ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।

43ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର