Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ପ୍ରଥମ ଶିଷ୍ୟମାନଙ୍କୁ ଆହ୍ୱାନ

ମାଥି 4:18–22 · ମାର୍କ 1:16–20 · ଲୂକ 5:1–11

ମାଥିଉ

ମାଥି 4:18–22

18ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

19ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”

20ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।

21ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ।

22ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।

ମାର୍କ

ମାର୍କ 1:16–20

16ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।

17ଯୀଶୁ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।”

18ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।

19ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ।

20ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି, ସେମାନେ ସେମାନଙ୍କର ପିତା ଜେବଦୀଙ୍କୁ ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ।

ଲୂକ

ଲୂକ 5:1–11

1ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;

2ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ।

3ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ।

4ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।”

5ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।

6ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା।

7ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା।

8କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।

9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ;

10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।”

11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର