Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ପାଞ୍ଚ ହଜାର ଲୋକଙ୍କୁ ଭୋଜନ

ମାଥି 14:13–21 · ମାର୍କ 6:30–44 · ଲୂକ 9:10–17 · ଯୋହ 6:1–14

ମାଥିଉ

ମାଥି 14:13–21

13ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ। ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍‍ଗମନ କଲେ;

14ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।

15ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ଜନଶୂନ୍ୟ, ପୁଣି, ବେଳ ତ ଗଲାଣି; ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି, ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ।

16କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସେମାନଙ୍କର ଯିବା ଆବଶ୍ୟକ ନୁହେଁ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।”

17ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।

18ସେ କହିଲେ, “ସେଗୁଡ଼ିକ ଏଠାକୁ ମୋʼ ପାଖକୁ ଆଣ।”

19ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।

20ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।

21ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ।

ମାର୍କ

ମାର୍କ 6:30–44

30ପରେ ପ୍ରେରିତମାନେ ଯୀଶୁଙ୍କ ନିକଟରେ ଏକତ୍ର ହେଲେ, ଆଉ ସେମାନେ ଯାହା ଯାହା କରିଥିଲେ ଓ ଯାହା ଯାହା ଶିକ୍ଷା ଦେଇଥିଲେ, ସେହିସବୁ ତାହାଙ୍କୁ ଜଣାଇଲେ।

31ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର।” କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା।

32ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ।

33କିନ୍ତୁ ଅନେକେ ସେମାନଙ୍କୁ ବାହାରି ଯିବାର ଦେଖିଲେ ଓ ଚିହ୍ନିଲେ, ପୁଣି, ଲୋକମାନେ ସମସ୍ତ ନଗରରୁ ପାଦଗତିରେ ସେଠାକୁ ଏକତ୍ର ଦୌଡ଼ିଯାଇ ସେମାନଙ୍କ ଆଗରେ ପହଞ୍ଚିଲେ।

34ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।

35ବେଳ ବହୁତ ହେବାରୁ ତାହାଙ୍କ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ତ ନିର୍ଜନ, ପୁଣି, ବହୁତ ବେଳ ହେଲାଣି;

36ଲୋକମାନେ ଯେପରି ଚତୁର୍ଦ୍ଦିଗରେ ପଲ୍ଲୀ ଓ ଗ୍ରାମମାନଙ୍କୁ ଯାଇ ଆପଣା ଆପଣା ନିମନ୍ତେ ଖାଇବା ପାଇଁ କିଛି କିଣନ୍ତି, ଏଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ।

37କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?

38ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ।

39ସେଥିରେ ସମସ୍ତେ ଯେପରି ଦଳ ଦଳ ହୋଇ କଅଁଳ ଘାସ ଉପରେ ବସନ୍ତି, ଏଥିପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।

40ତହିଁରେ ସେମାନେ ଶହ ଶହ ଓ ପଚାଶ ପଚାଶ ଜଣ କରି ଦଳ ଦଳ ହୋଇ ବସିଲେ।

41ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।

42ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ,

43ଆଉ ସେମାନେ ଭଙ୍ଗା ରୁଟିର ବଳକା ଉଠାଇ ବାର ଟୋକେଇ ଭର୍ତ୍ତି କଲେ ଏବଂ ଭାଗ କରାଯାଇଥିବା ମାଛରୁ ମଧ୍ୟ କିଛି କିଛି ଗୋଟାଇଲେ।

44ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।

ଲୂକ

ଲୂକ 9:10–17

10ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।

11କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।

12ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।

13କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?

14କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।”

15ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ।

16ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।

17ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ।

ଯୋହନ

ଯୋହ 6:1–14

1ଏଥିଉତ୍ତାରେ ଯୀଶୁ ଗାଲିଲୀ ସମୁଦ୍ରର, ଅର୍ଥାତ୍‍, ତିବିରୀୟା ହ୍ରଦର ଆରପାରିକୁ ଗଲେ।

2ଆଉ, ସେ ରୋଗୀମାନଙ୍କ ପ୍ରତି ଯେଉଁ ଯେଉଁ ଆଶ୍ଚର୍ଯ୍ୟକର୍ମ କରୁଥିଲେ, ସେହିସବୁ ଦେଖି ବହୁସଂଖ୍ୟକ ଲୋକ ତାହାଙ୍କ ପଶ୍ଚାତ୍‍ଗମନ କରିବାକୁ ଲାଗିଲେ।

3ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।

4ସେତେବେଳେ ଯିହୁଦୀମାନଙ୍କ ନିସ୍ତାର ପର୍ବ ନିକଟବର୍ତ୍ତୀ ଥିଲା।

5ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”

6କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।

7ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।

8ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି,

9ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?

10ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ।

11ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।

12ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।”

13ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।

14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର