1ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ।
2ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା।
3ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
4କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା।
5ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା।
6ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ତୁମ୍ଭକୁ ଈଶ୍ବରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ।
8କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, “ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା।”
9ଆଉ ଯୀଶୁ ତାହାକୁ ପଚାରିଲେ, “ତୋର ନାଁ କଅଣ?” ସେ ତାହାକୁ କହିଲା, ମୋହର ନାଁ ବାହିନୀ, ଯେଣୁ ଆମେ ଅନେକ।
10ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା।
11ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା।
12ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ।
13ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା।
14ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଅଛି ବୋଲି ଦେଖିବାକୁ ଆସିଲେ।
15ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ।
16ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
17ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ।
18ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା।
19କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, “ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ।”
20ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ।