Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ

ପାଖାପାଖି ସୁସମାଚାର · ଦୁଃଖଭୋଗ

ଗେଥ୍‌ଶିମାନୀ

ମାଥି 26:36–46 · ମାର୍କ 14:32–42 · ଲୂକ 22:39–46

ମାଥିଉ

ମାଥି 26:36–46

36ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ, “ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”

37ଆଉ, ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ।

38ସେତେବେଳେ ସେ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି, ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ।”

39ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ, “ହେ ମୋହର ପିତା, ଯଦି ହୋଇପାରେ, ତେବେ ଏହି ଦୁଃଖର ପାତ୍ର ମୋʼଠାରୁ ଦୂର ହେଉ; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”

40ଆଉ, ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ?

41ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”

42ପୁଣି, ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ, “ହେ ମୋହର ପିତା, ପାନ ନ କଲେ ଏହି ପାତ୍ର ଯଦି ମୋʼଠାରୁ ଦୂର ହୋଇ ନ ପାରେ, ତେବେ ତୁମ୍ଭର ଇଚ୍ଛା ସଫଳ ହେଉ।”

43ପୁଣି, ସେ ଆସି ପୁନର୍ବାର ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା।

44ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି, ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ।

45ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ, “ଅଳ୍ପ ସମୟ ଶୋଇ କରି ବିଶ୍ରାମ କର, ଦେଖ, ସେହି ସମୟ ସନ୍ନିକଟ ହେଲାଣି, ପୁଣି, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।

46ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”

ମାର୍କ

ମାର୍କ 14:32–42

32ପରେ ସେମାନେ ଗେଥ୍‌ଶିମାନୀ ନାମକ ଗୋଟିଏ ସ୍ଥାନକୁ ଆସିଲେ, ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ।”

33ପୁଣି, ସେ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅତ୍ୟନ୍ତ ବିସ୍ମୟାନ୍ୱିତ ଓ ବ୍ୟାକୁଳ ହେବାକୁ ଲାଗିଲେ।

34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି; ତୁମ୍ଭେମାନେ ଏଠାରେ ରହି ଜାଗିଥାଅ।”

35ପୁଣି, ଯୀଶୁ ଅଳ୍ପ ଦୂର ଆଗକୁ ଯାଇ ଭୂମିରେ ପଡ଼ି, ଯଦି ହୋଇପାରେ, ସେହି ସମୟ ତାହାଙ୍କଠାରୁ ଯେପରି ଦୂର ହୁଏ, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ଲାଗିଲେ।

36ଆଉ ଯୀଶୁ କହିଲେ, “ଆବ୍ବା, ପିତଃ, ସମସ୍ତ ତୁମ୍ଭର ସାଧ୍ୟ; ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା।”

37ପୁଣି, ସେ ଆସି ଶିଷ୍ୟମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ, “ଶିମୋନ, ତୁମ୍ଭେ କଅଣ ଶୋଇପଡ଼ିଲ? ଘଣ୍ଟାଏ ହେଲେ ଜାଗି ପାରିଲ ନାହିଁ?

38ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଜାଗି ରହି ପ୍ରାର୍ଥନା କର; ଆତ୍ମା ଇଚ୍ଛୁକ ସତ୍ୟ, ମାତ୍ର ଶରୀର ଦୁର୍ବଳ।”

39ସେ ପୁନର୍ବାର ଯାଇ ପୂର୍ବ ପରି କଥା କହି ପ୍ରାର୍ଥନା କଲେ।

40ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।

41ଯୀଶୁ ତୃତୀୟ ଥର ଆସି ଶିଷ୍ୟମାନଙ୍କୁ କହିଲେ, “ଅଳ୍ପ କ୍ଷଣ ଶୟନ କରି ବିଶ୍ରାମ କର; ଯଥେଷ୍ଟ ହେଲାଣି; ସେହି ସମୟ ଉପସ୍ଥିତ; ଦେଖ, ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି।

42ଉଠ, ଆମ୍ଭେମାନେ ଯିବା, ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ସେ ନିକଟବର୍ତ୍ତୀ।”

ଲୂକ

ଲୂକ 22:39–46

39ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।

40ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”

41ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,

42“ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ।”

43ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ।

44ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା।

45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;

46ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର