Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଯାଈରସଙ୍କ କନ୍ୟା ଓ ତାହାଙ୍କ ବସ୍ତ୍ର ଛୁଇଁଥିବା ସ୍ତ୍ରୀ

ମାଥି 9:18–26 · ମାର୍କ 5:21–43 · ଲୂକ 8:40–56

ମାଥିଉ

ମାଥି 9:18–26

18ଯୀଶୁ ସେମାନଙ୍କୁ ଏହିସବୁ କଥା କହିବା ସମୟରେ, ଦେଖ, ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ, ମୋହର ଝିଅଟି ଏହିକ୍ଷଣି ମରିଗଲା, କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ, ଆଉ ସେ ବଞ୍ଚିବ।

19ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ।

20ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,

21କାରଣ ସେ ମନେ ମନେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।

22କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।

23ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ, “ବାହାରିଯାଅ, ବାଳିକାଟି ତ ମରି ନାହିଁ, ମାତ୍ର ଶୋଇ ପଡ଼ିଅଛି”

24ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

25କିନ୍ତୁ ଲୋକସମୂହ ବାହାର କରାଯାଆନ୍ତେ, ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ, ଆଉ ସେ ଉଠିଲା।

26ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।

ମାର୍କ

ମାର୍କ 5:21–43

21ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ।

22ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,

23ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ।

24ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।

25ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,

26ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,

27ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା;

28କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି।

29ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା।

30ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?”

31ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?”

32କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ।

33ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା।

34ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”

35ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?

36କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।”

37ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ।

38ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ,

39ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

40କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,

41ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍‍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।”

42ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ।

43ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।

ଲୂକ

ଲୂକ 8:40–56

40ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ।

41ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ। ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,

42କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।

43ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ ସମସ୍ତ ପୁଞ୍ଜି ସୁସ୍ଥ ହେବା ପାଇଁ ବୈଦ୍ୟମାନଙ୍କଠାରେ ଖର୍ଚ୍ଚ କରିଥିଲା କିନ୍ତୁ ସୁସ୍ଥ ହୋଇପାରି ନ ଥିଲା,

44ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା।

45ସେଥିରେ ଯୀଶୁ କହିଲେ, “କିଏ ମୋତେ ଛୁଇଁଲା?” ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି।

46କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”

47ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।

48ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”

49ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ।

50କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ, “ଭୟ କର ନାହିଁ କେବଳ ବିଶ୍ୱାସ କର, ଆଉ ସେ ବଞ୍ଚିବ।”

51ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।

52ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ। ସେଥିରେ ସେ କହିଲେ, “ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି।”

53କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ।

54ମାତ୍ର ସେ ତାହାର ହାତ ଧରି ଡାକି କହିଲେ, “ଆଗୋ ବାଳିକା, ଉଠ।”

55ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା, ପୁଣି, ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ।

56ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର