Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ବାପ୍ତିଜକ ଯୋହନଙ୍କ ମୃତ୍ୟୁ

ମାଥି 14:1–12 · ମାର୍କ 6:14–29 · ଲୂକ 9:7–9

ମାଥିଉ

ମାଥି 14:1–12

1ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ,

2ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।

3ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

4କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।

5ଆଉ, ସେ ତାହାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।

6କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ, ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା।

7ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ, ସେ ଯାହା କିଛି ମାଗିବ, ସେ ତାହାକୁ ତାହା ଦେବେ।

8ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ।

9ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ।

10ପୁଣି, ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ,

11ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା, ପୁଣି, ସେ ଆପଣା ମାଆ ନିକଟକୁ ତାହା ନେଇଗଲା।

12ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ।

ମାର୍କ

ମାର୍କ 6:14–29

14ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।

15କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।

16କିନ୍ତୁ ହେରୋଦ ଏହା ଶୁଣି କହିଲେ, ଯେଉଁ ଯୋହନଙ୍କ ମସ୍ତକ ଆମ୍ଭେ ଛେଦନ କରିଅଛୁ, ସେ ଉଠିଅଛନ୍ତି।

17ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କୁ ବିବାହ କରିଥିବାରୁ ତାହାଙ୍କ ସକାଶେ ଆପେ ଲୋକ ପଠାଇ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ।

18କାରଣ ଯୋହନ ହେରୋଦଙ୍କୁ କହୁଥିଲେ, ଆପଣା ଭାଇର ଭାର୍ଯ୍ୟାକୁ ରଖିବା ଆପଣଙ୍କର ବିଧିସଙ୍ଗତ ନୁହେଁ।

19ସେଥିରେ ହେରୋଦିଆ ତାହାଙ୍କ ପ୍ରତି ଈର୍ଷାନ୍ୱିତ ହୋଇ ତାହାଙ୍କୁ ବଧ କରିବା ନିମନ୍ତେ ଇଚ୍ଛା କରୁଥିଲେ, ମାତ୍ର ପାରୁ ନ ଥିଲେ;

20କାରଣ ହେରୋଦ ଯୋହନଙ୍କୁ ଜଣେ ଧାର୍ମିକ ଓ ପବିତ୍ର ବ୍ୟକ୍ତି ଜାଣି ଭୟ କରୁଥିଲେ ଆଉ ତାହାଙ୍କୁ ରକ୍ଷା କରିବାକୁ ଚେଷ୍ଟା କରୁଥିଲେ, ପୁଣି, ତାହାଙ୍କ କଥା ଶୁଣି ଅତିଶୟ ଉଦ୍‌ବିଗ୍ନ ହେଲେ ସୁଦ୍ଧା ଆନନ୍ଦରେ ତାହା ଶୁଣୁଥିଲେ।

21ପରେ ସୁଯୋଗର ଦିନ ଉପସ୍ଥିତ ହେଲା। ହେରୋଦ ଆପଣା ଜନ୍ମ ଦିନରେ ପାତ୍ର-ମନ୍ତ୍ରୀ, ପ୍ରଧାନ ପ୍ରଧାନ ସେନାପତି ଓ ଗାଲିଲୀର ବିଶିଷ୍ଟ ବ୍ୟକ୍ତିମାନଙ୍କ ନିମନ୍ତେ ରାତ୍ରି ସମୟରେ ଗୋଟିଏ ଭୋଜ ପ୍ରସ୍ତୁତ କଲେ;

22ଆଉ ହେରୋଦିଆଙ୍କ ନିଜର କନ୍ୟା ଭିତରକୁ ଆସି ନୃତ୍ୟ କରି ହେରୋଦ ଓ ତାହାଙ୍କ ସହିତ ଭୋଜରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ମୁଗ୍ଧ କରିଦେଲା। ସେଥିରେ ରାଜା ବାଳିକାକୁ କହିଲେ, ଯାହା ଇଚ୍ଛା କରୁଅଛ, ମାଗ, ଆମ୍ଭେ ତୁମ୍ଭକୁ ତାହା ଦେବା।

23ପୁଣି, ସେ ତାହା ନିକଟରେ ଶପଥ କଲେ, ତୁମ୍ଭେ ଆମ୍ଭକୁ ଯାହା କିଛି ମାଗିବ, ରାଜ୍ୟର ଅର୍ଦ୍ଧେକ ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ଦେବା।

24ତହିଁରେ ସେ ବାହାରିଯାଇ ଆପଣା ମାତାଙ୍କୁ ପଚାରିଲା, ମୁଁ କଅଣ ମାଗିବି? ସେ କହିଲେ ବାପ୍ତିଜକ ଯୋହନର ମସ୍ତକ।

25ସେହିକ୍ଷଣି ସେ ରାଜାଙ୍କ ନିକଟକୁ ଶୀଘ୍ର ଆସି ଏହା କହି ମାଗିଲା, ମୋହର ଇଚ୍ଛା ଯେ, ଆପଣ ବାପ୍ତିଜକ ଯୋହନର ମସ୍ତକ ଗୋଟିଏ ଥାଳିରେ ମୋତେ ଏହିକ୍ଷଣି ଦିଅନ୍ତୁ।

26ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।

27ଏଣୁ ରାଜା ସେହିକ୍ଷଣି ଜଣେ ସୈନ୍ୟ ପଠାଇ ତାହାଙ୍କର ମସ୍ତକ ଆଣିବା ନିମନ୍ତେ ଆଜ୍ଞା ଦେଲେ। ସେଥିରେ ସେ ଯାଇ ବନ୍ଦୀଶାଳାରେ ତାହାଙ୍କ ମସ୍ତକ ଛେଦନ କଲା,

28ଆଉ ତାହା ଗୋଟିଏ ଥାଳିରେ ଆଣି ବାଳିକାକୁ ଦେଲା, ପୁଣି, ବାଳିକା ତାହା ଘେନି ନିଜ ମାତାଙ୍କୁ ଦେଲା।

29ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ।

ଲୂକ

ଲୂକ 9:7–9

7ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;

8ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।

9କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର