Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଆରମ୍ଭ

ପାଖାପାଖି ସୁସମାଚାର · ଆରମ୍ଭ

ବାପ୍ତିଜକ ଯୋହନଙ୍କ ପ୍ରଚାର

ମାଥି 3:1–12 · ମାର୍କ 1:1–8 · ଲୂକ 3:1–18 · ଯୋହ 1:19–28

ମାଥିଉ

ମାଥି 3:1–12

1ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,

2“ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”

3ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”

4ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।

5ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,

6ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।

7କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

8ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର,

9ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।

10ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

11ମୁଁ ସିନା ତୁମ୍ଭମାନଙ୍କୁ ମନ-ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋʼଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

12ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”

ମାର୍କ

ମାର୍କ 1:1–8

1ଈଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।

2ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;

3ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”

4ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।

5ସେଥିରେ ସମଗ୍ର ଯିହୂଦିୟା ପ୍ରଦେଶ ଓ ସମସ୍ତ ଯିରୂଶାଲମ ସହରନିବାସୀ ବାହାରି ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ।

6ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ପଙ୍ଗପାଳ ଓ ବନମଧୁ ଖାଉଥିଲେ।

7ସେ ଘୋଷଣା କରି କହିବାକୁ ଲାଗିଲେ, “ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ।

8ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ।”

ଲୂକ

ଲୂକ 3:1–18

1ତିବିରୀୟା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦିୟା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ

2ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।

3ସେଥିରେ ସେ ଯର୍ଦ୍ଦନ ନଦୀର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,

4ଯେପରି ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର;

5ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;

6ପୁଣି, ସମସ୍ତ ମନୁଷ୍ୟ ଈଶ୍ବରଙ୍କ ପରିତ୍ରାଣ ଦେଖିବେ।

7ଅତଏବ, ଯୋହନ ତାହାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?

8ଏଣୁ ମନ-ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।

9ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।

10ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ, ତାହାହେଲେ ଆମ୍ଭେମାନେ କଅଣ କରିବା?

11ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।

12କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା?

13ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି, ତାହାଠାରୁ ଅଧିକ ଆଦାୟ କର ନାହିଁ।

14ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ, ଆଉ ଆମ୍ଭେମାନେ କଅଣ କରିବା? ସେ ସେମାନଙ୍କୁ କହିଲେ, ବଳରେ କି ଛଳରେ କାହାର ଧନ ହରଣ କର ନାହିଁ, ପୁଣି, ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ।

15ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ, ଏହା ତାହାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ,

16ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।

17ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।

18ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;

ଯୋହନ

ଯୋହ 1:19–28

19ଆପଣ କିଏ, ଏହା ଯୋହନଙ୍କୁ ପଚାରିବା ନିମନ୍ତେ ଯିହୁଦୀ ନେତାମାନେ ଯେତେବେଳେ ଯିରୂଶାଲମ ସହରରୁ ଯାଜକ ଓ ଲେବୀୟମାନଙ୍କୁ ତାହାଙ୍କ ନିକଟକୁ ପଠାଇଲେ, ସେତେବେଳେ ସେ ଏହି ସାକ୍ଷ୍ୟ ଦେଲେ,

20ସେ ସ୍ୱୀକାର କଲେ, ଅସ୍ୱୀକାର କଲେ ନାହିଁ; ସେ ସ୍ୱୀକାର କଲେ, ମୁଁ ଖ୍ରୀଷ୍ଟ ନୁହେଁ।

21ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।

22ସେଥିରେ ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କୁ ପଠାଇଥିବା ଲୋକଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିସକାଶେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କହୁଅଛନ୍ତି?

23ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”

24ପୁଣି, ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ପ୍ରେରିତ ହୋଇଥିଲେ।

25ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?

26ଯୋହନ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଜଳରେ ବାପ୍ତିସ୍ମ ଦେଉଅଛି; ଯାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ, ସେ ତୁମ୍ଭମାନଙ୍କ ମଧ୍ୟରେ ବିଦ୍ୟମାନ;

27ସେ ମୋʼ ଉତ୍ତାରେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।

28ଯର୍ଦ୍ଦନ ନଦୀର ପରପାରସ୍ଥ ଯେଉଁ ବେଥନୀୟାରେ ଯୋହନ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନରେ ଏହିସବୁ ଘଟିଲା।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର