16ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?
17ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।”
18ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା? ଯୀଶୁ କହିଲେ, “ଏହିସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
19ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”
20ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?
21ଯୀଶୁ ତାହାଙ୍କୁ କହିଲେ, “ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।”
22କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା।
23ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ।
24ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।”
25ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
26ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”
27ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?
28ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
29“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
30କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”