1ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
2“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
3ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
4ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
5ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,
6ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
7ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
8କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
9ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
10ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
11କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ, ସେ ତୁମ୍ଭମାନଙ୍କର ସେବକ ହେବ।
12ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ।”