Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ

ପାଖାପାଖି ସୁସମାଚାର · ଯିରୂଶାଲମରେ

ଶେଷର ଚିହ୍ନ

ମାଥି 24:3–14 · ମାର୍କ 13:3–13 · ଲୂକ 21:7–19

ମାଥିଉ

ମାଥି 24:3–14

3ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।

4ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।

5କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।

6ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।

7କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ।

8କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

9ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।

10ସେତେବେଳେ ଅନେକେ ବିଘ୍ନ ପାଇବେ, ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

11ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,

12ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ।

13ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।

14ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।

ମାର୍କ

ମାର୍କ 13:3–13

3ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,

4ପୁଣି, ଯେଉଁ ସମୟରେ ଏହିସବୁ ସଫଳ ହେବା ସନ୍ନିକଟ ହେବ, ସେ ସମୟର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କହନ୍ତୁ।

5ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।

6ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।

7ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।

8କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।

9କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।

10ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।

11ଏଣୁ ଯେତେବେଳେ ଲୋକେ ତୁମ୍ଭମାନଙ୍କୁ ଘେନିଯାଇ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କଅଣ କହିବ, ସେ ବିଷୟରେ ପୂର୍ବରୁ ଚିନ୍ତିତ ହୁଅ ନାହିଁ; କିନ୍ତୁ ସେହି ସମୟରେ ତୁମ୍ଭମାନଙ୍କୁ ଯାହା ଦିଆଯିବ, ତାହା କୁହ; କାରଣ ତୁମ୍ଭେମାନେ ବକ୍ତା ନୁହଁ, ମାତ୍ର ପବିତ୍ର ଆତ୍ମା ବକ୍ତା ଅଟନ୍ତି।

12ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;

13ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”

ଲୂକ

ଲୂକ 21:7–19

7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?

8ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।

9ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଳବ ବିଷୟ ଶୁଣିବ, ସେତେବେଳେ ଭୟ କର ନାହିଁ; କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ, କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ।”

10ତାହା ପରେ ସେ ସେମାନଙ୍କୁ କହିଲେ, “ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ,

11ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।

12କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;

13ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।

14ଅତଏବ କଅଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;

15କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।

16କିନ୍ତୁ ତୁମ୍ଭେମାନେ ପିତାମାତା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ, ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ,

17ପୁଣି, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ।

18କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;

19ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର