Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଯୀଶୁ ଝଡ଼ ଶାନ୍ତ କରନ୍ତି

ମାଥି 8:23–27 · ମାର୍କ 4:35–41 · ଲୂକ 8:22–25

ମାଥିଉ

ମାଥି 8:23–27

23ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ।

24ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ।

25ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ।

26ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା।

27ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।

ମାର୍କ

ମାର୍କ 4:35–41

35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।”

36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା।

37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା।

38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ?

39ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା।

40ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?”

41ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?

ଲୂକ

ଲୂକ 8:22–25

22ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ।

23କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ।

24ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା।

25ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର