1ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,
2ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ।
3ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”
4କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”
5ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପବିତ୍ର ନଗରୀ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା,
6“ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଲେଖାଅଛି, ‘ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ, ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’”
7ଯୀଶୁ ତାହାଙ୍କୁ କହିଲେ, “ଆହୁରି ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କରିବ ନାହିଁ।’”
8ପୁନଶ୍ଚ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେସବୁର ଐଶ୍ୱର୍ଯ୍ୟ ଦେଖାଇ କହିଲା,
9ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ, ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା।
10ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”
11ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ।