Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମରେ

ପାଖାପାଖି ସୁସମାଚାର · ଯିରୂଶାଲମରେ

ଚାଷୀମାନଙ୍କ ଦୃଷ୍ଟାନ୍ତ

ମାଥି 21:33–46 · ମାର୍କ 12:1–12 · ଲୂକ 20:9–19

ମାଥିଉ

ମାଥି 21:33–46

33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।

34ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ।

35କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ।

36ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ।

37‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ।

38ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’

39ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।

40ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”

41ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।

42ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’

43ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।

44ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।”

45ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି, ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି, ଏହା ବୁଝିଲେ।

46ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ।

ମାର୍କ

ମାର୍କ 12:1–12

1ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।

2ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।

3କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ।

4ପୁଣି, ସେହି ବ୍ୟକ୍ତି କୃଷକମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ଡ ଫଟାଇଦେଲେ ଓ ତାହାକୁ ଅପମାନ କଲେ।

5ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।

6ତାହାଙ୍କ ନିକଟରେ ଆପଣା ପ୍ରିୟ ପୁତ୍ର ମାତ୍ର ରହିଥିଲେ। ମୋହର ପୁଅକୁ ସେମାନେ ମାନ୍ୟ କରିବେ, ଏହା ଭାବି ସେ ଅବଶେଷରେ ତାହାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।

7ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ।

8ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।

9ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।

10ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;

11ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’”

12ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।

ଲୂକ

ଲୂକ 20:9–19

9ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।

10ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।

11ସେ ପୁଣି, ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ;

12ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ; କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ।

13ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।

14ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ।

15ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?

16ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”

17କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’

18ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”

19ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର