Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଯୀଶୁ ଜଳ ଉପରେ ଚାଲନ୍ତି

ମାଥି 14:22–33 · ମାର୍କ 6:45–52 · ଯୋହ 6:15–21

ମାଥିଉ

ମାଥି 14:22–33

22ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।

23ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।

24କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା।

25କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ,

26ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।

27କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।”

28ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ।

29ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ।

30ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।

31ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?”

32ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା।

33ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର।

ମାର୍କ

ମାର୍କ 6:45–52

45ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।

46ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।

47ସନ୍ଧ୍ୟା ହେବା ପରେ ନୌକାଟି ସମୁଦ୍ରର ମଧ୍ୟଭାଗରେ ଥିଲା ଓ ସେ ସ୍ଥଳରେ ଏକାକୀ ଥିଲେ।

48ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ।

49କିନ୍ତୁ ସେମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବା ଦେଖି ଭୂତ ବୋଲି ଭାବି ଚିତ୍କାର କଲେ,

50କାରଣ ସମସ୍ତେ ତାହାଙ୍କୁ ଦେଖି ଉଦ୍‌ବିଗ୍ନ ହୋଇଥିଲେ। ମାତ୍ର ସେ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କୁ କହିଲେ, “ସାହସ ଧର, ଏ ତ ମୁଁ, ଭୟ କର ନାହିଁ।”

51ପୁଣି, ସେ ସେମାନଙ୍କ ନିକଟକୁ ଯାଇ ନୌକାରେ ଚଢ଼ିଲେ, ଆଉ ପବନ ବନ୍ଦ ହେଲା। ସେଥିରେ ସେମାନେ ମନେ ମନେ ଅତ୍ୟନ୍ତ ଆଚମ୍ଭିତ ହେଲେ,

52କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।

ଯୋହନ

ଯୋହ 6:15–21

15ଅତଏବ, ସେମାନେ ଆସି ରାଜା କରିବା ନିମନ୍ତେ ଯେ ତାହାଙ୍କୁ ବଳପୂର୍ବକ ଧରିବାକୁ ଉଦ୍ୟତ ଅଟନ୍ତି, ଏହା ଜାଣି ଯୀଶୁ ପୁନର୍ବାର ଅନ୍ତର ହୋଇ ଏକାକୀ ପର୍ବତକୁ ବାହାରିଗଲେ।

16ସନ୍ଧ୍ୟା ହୁଅନ୍ତେ ତାହାଙ୍କ ଶିଷ୍ୟମାନେ ସମୁଦ୍ରକୂଳକୁ ଗଲେ

17ଓ ନୌକାରେ ଚଢ଼ି ସମୁଦ୍ର ସେପାରସ୍ଥ କଫର୍ନାହୂମ ଆଡ଼କୁ ଯିବାକୁ ଲାଗିଲେ। ଅନ୍ଧକାର ହୋଇଗଲା, ପୁଣି, ଯୀଶୁ ସେପର୍ଯ୍ୟନ୍ତ ସେମାନଙ୍କ ନିକଟକୁ ଆସି ନ ଥିଲେ,

18ଆଉ ପ୍ରବଳ ପବନ ବହୁଥିବାରୁ ସମୁଦ୍ରରେ ଲହଡ଼ି ଉଠୁଥିଲା।

19ଇତିମଧ୍ୟରେ ସେମାନେ ପ୍ରାୟ ଦେଢ଼ ବା ଦୁଇ କୋଶ ବାହିଯାଇ ଯୀଶୁଙ୍କୁ ସମୁଦ୍ର ଉପରେ ଚାଲି ନୌକା ନିକଟକୁ ଆସୁଥିବା ଦେଖି ଭୀତ ହେଲେ।

20କିନ୍ତୁ ସେ ସେମାନଙ୍କୁ କହିଲେ, “ଏ ତ ମୁଁ, ଭୟ କର ନାହିଁ।”

21ତେଣୁ ସେମାନେ ତାହାଙ୍କୁ ନୌକାରେ ନେବାକୁ ଇଚ୍ଛୁକ ହେଲେ, ପୁଣି, ସେମାନେ ଯେଉଁ ସ୍ଥାନକୁ ଯାଉଥିଲେ, ନୌକାଟି ତତ୍‍କ୍ଷଣାତ୍‍ ସେହି ସ୍ଥାନରେ ପହଞ୍ଚିଲା।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର