Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ହାତ ଶୁଖିଯାଇଥିବା ଲୋକ

ମାଥି 12:9–14 · ମାର୍କ 3:1–6 · ଲୂକ 6:6–11

ମାଥିଉ

ମାଥି 12:9–14

9ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ।

10ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?

11କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?

12ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।

13ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।

14କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।

ମାର୍କ

ମାର୍କ 3:1–6

1ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା।

2ଆଉ, ସେ ତାହାକୁ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିପାରନ୍ତି।

3ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, “ଆସ, ମଝିରେ ଠିଆ ହୁଅ।”

4ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।

5ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।

6ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ।

ଲୂକ

ଲୂକ 6:6–11

6ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା।

7ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।

8କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।

9ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”

10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।

11କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କଅଣ କରିପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର