Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଚିନ୍ତା କର ନାହିଁ

ମାଥି 6:25–34 · ଲୂକ 12:22–31

ମାଥିଉ

ମାଥି 6:25–34

25ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ?

26ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?

27ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?

28ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ,

29ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।

30କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ?

31ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ।

32କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି।

33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।

34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।

ଲୂକ

ଲୂକ 12:22–31

22ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।

23କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।

24କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!

25ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ?

26ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ?

27କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ।

28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!

29ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,

30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।

31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର