Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ

ଯିହୁଦାର ରାଜା ଆହସ୍‌

ଦ୍ଵି.ରା 16:1–20 · ଦ୍ଵି.ବଂ 28:1–27

ଦ୍ୱିତୀୟ ରାଜାବଳୀ

ଦ୍ଵି.ରା 16:1–20

1ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ସତର ବର୍ଷରେ ଯିହୁଦାର ରାଜା ଯୋଥମ୍‍ଙ୍କର ପୁତ୍ର ଆହସ୍‌ ରାଜତ୍ୱ କରିବାକୁ ଆରମ୍ଭ କଲେ।

2ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ; ପୁଣି ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

3ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ।

4ପୁଣି ସେ ଉଚ୍ଚସ୍ଥଳୀମାନରେ ଓ ପର୍ବତଗଣ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

5ସେତେବେଳେ ଅରାମର ରାଜା ରତ୍ସୀନ ଓ ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହ ଯୁଦ୍ଧ କରିବା ପାଇଁ ଯିରୂଶାଲମକୁ ଆସିଲେ। ପୁଣି ସେମାନେ ଆହସ୍‌ଙ୍କୁ ଅବରୋଧ କଲେ, ମାତ୍ର ତାଙ୍କୁ ପରାସ୍ତ କରି ପାରିଲେ ନାହିଁ।

6ସେହି ସମୟରେ ଅରାମର ରାଜା ରତ୍ସୀନ, ଏଲତ୍‍ ନଗରକୁ ପୁନର୍ବାର ଅରାମର ଅଧୀନ କରାଇ ଯିହୁଦୀୟମାନଙ୍କୁ ଏଲତ୍‍ରୁ ତଡ଼ିଦେଲା। ତହିଁରେ ଅରାମୀୟମାନେ ଏଲତ୍‍କୁ ଆସି ଆଜି ପର୍ଯ୍ୟନ୍ତ ସେଠାରେ ବାସ କରୁଅଛନ୍ତି।

7ଏଥିରେ ଆହସ୍‌ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ନିକଟକୁ ଦୂତଗଣ ପଠାଇ କହିଲେ, “ମୁଁ ତୁମ୍ଭର ଦାସ ଓ ତୁମ୍ଭର ପୁତ୍ର; ଆସ, ଅରାମର ରାଜା ହସ୍ତରୁ ଓ ଇସ୍ରାଏଲର ରାଜା ହସ୍ତରୁ ମୋତେ ଉଦ୍ଧାର କର, ଏମାନେ ମୋʼ ବିରୁଦ୍ଧରେ ଉଠୁଅଛନ୍ତି।”

8ପୁଣି ଆହସ୍‌ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସୁନା ଓ ରୂପା ନେଇ ଅଶୂରର ରାଜା ନିକଟକୁ ଦର୍ଶନୀ ରୂପେ ପଠାଇଲେ।

9ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।

10ଏଥିଉତ୍ତାରେ ଆହସ୍‌ ରାଜା ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍‌କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍‌ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।

11ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍‌ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍‌ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।

12ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।

13ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।

14ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍‍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।

15ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”

16ଏହିରୂପେ ଊରୀୟ ଯାଜକ ଆହସ୍‌ ରାଜାଙ୍କର ଆଜ୍ଞା ପ୍ରମାଣେ ସବୁ କର୍ମ କଲା।

17ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।

18ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ।

19ଏହି ଆହସ୍‌ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

20ଏଥିଉତ୍ତାରେ ଆହସ୍‌ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 28:1–27

1ଆହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ କୋଡ଼ିଏ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ପୁଣି, ସେ ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ନାହିଁ।

2ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ମଧ୍ୟ ବାଲ୍‍ଦେବଗଣ ଉଦ୍ଦେଶ୍ୟରେ ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କଲେ।

3ଆହୁରି, ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଧୂପ ଜ୍ୱଳାଇଲେ ଓ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରିଥିଲେ, ସେମାନଙ୍କର ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ସନ୍ତାନଗଣକୁ ଅଗ୍ନିରେ ଦଗ୍ଧ କଲେ।

4ପୁଣି, ସେ ଉଚ୍ଚସ୍ଥଳୀରେ ଓ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

5ଏହେତୁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଅରାମ-ରାଜାର ହସ୍ତରେ ତାଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ତାଙ୍କୁ ପରାସ୍ତ କଲେ ଓ ତାଙ୍କର ଅସଂଖ୍ୟ ଲୋକଙ୍କୁ ବନ୍ଦୀ କରି ଦମ୍ମେଶକକୁ ନେଇଗଲେ। ମଧ୍ୟ ସେ ଇସ୍ରାଏଲ ରାଜାଙ୍କର ହସ୍ତରେ ସମର୍ପିତ ହୁଅନ୍ତେ, ସେ ତାଙ୍କୁ ମହାସଂହାରରେ ପରାସ୍ତ କଲେ।

6କାରଣ ରମଲୀୟର ପୁତ୍ର ପେକହ ଯିହୁଦାରେ ଏକ ଲକ୍ଷ କୋଡ଼ିଏ ହଜାର ବିକ୍ରମଶାଳୀ ଲୋକଙ୍କୁ ଏକ ଦିନରେ ବଧ କଲା; ଯେଣୁ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।

7ପୁଣି, ସିଖ୍ରି ନାମରେ ଇଫ୍ରୟିମୀୟ ଏକ ବିକ୍ରମଶାଳୀ ଲୋକ ରାଜପୁତ୍ର ମାସେୟକୁ ଓ ଗୃହାଧ୍ୟକ୍ଷ ଅସ୍ରୀକାମକୁ ଓ ରାଜାଙ୍କର ଦ୍ୱିତୀୟ (ସ୍ଥାନୀୟ) ଇଲ୍‍କାନାକୁ ବଧ କଲା।

8ଆଉ, ଇସ୍ରାଏଲ ସନ୍ତାନମାନେ ଆପଣାମାନଙ୍କ ଭ୍ରାତୃଗଣର ସ୍ତ୍ରୀ, ପୁତ୍ର ଓ କନ୍ୟା, ଦୁଇ ଲକ୍ଷ ପ୍ରାଣୀକୁ ବନ୍ଦୀ କରି ନେଇଗଲେ, ମଧ୍ୟ ସେମାନଙ୍କଠାରୁ ବହୁତ ଲୁଟଦ୍ରବ୍ୟ ନେଲେ ଓ ସେହି ଲୁଟ ଦ୍ରବ୍ୟସବୁ ଶମରୀୟାକୁ ଆଣିଲେ।

9ମାତ୍ର ସେଠାରେ ଓଦେଦ୍‍ ନାମରେ ସଦାପ୍ରଭୁଙ୍କର ଜଣେ ଭବିଷ୍ୟଦ୍‍ବକ୍ତା ଥିଲେ; ସେ ଶମରୀୟାକୁ ଆଗତ ସୈନ୍ୟଦଳ ସଙ୍ଗେ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ କହିଲା, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ଯିହୁଦା ପ୍ରତି କୋପାନ୍ୱିତ ହେବାରୁ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ଆଉ ତୁମ୍ଭେମାନେ ଗଗନସ୍ପର୍ଶୀ କ୍ରୋଧାଗ୍ନି ଦ୍ୱାରା ସେମାନଙ୍କୁ ବଧ କରିଅଛ।

10ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ?

11ଏହେତୁ ଏବେ ଆମ୍ଭ କଥା ଶୁଣ, ଆଉ ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତୃଗଣ ମଧ୍ୟରୁ ଯେଉଁମାନଙ୍କୁ ବନ୍ଦୀ କରି ଆଣିଅଛ, ସେମାନଙ୍କୁ ଫେରି ପଠାଇଦିଅ; କାରଣ ତୁମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ରହିଅଛି।”

12ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,

13“ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”

14ତହିଁରେ ଅସ୍ତ୍ରଧାରୀ ଲୋକମାନେ ସେହି ବନ୍ଦୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଅଧିପତିମାନଙ୍କର ଓ ସମଗ୍ର ସମାଜର ସମ୍ମୁଖରେ ରଖିଲେ।

15ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।

16ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।

17କାରଣ ଇଦୋମୀୟ ଲୋକମାନେ ପୁନର୍ବାର ଯିହୁଦା ଦେଶକୁ ଆସି ପରାସ୍ତ କରି ଅନେକଙ୍କୁ ବନ୍ଦୀ କରି ନେଇ ଯାଇଥିଲେ।

18ପଲେଷ୍ଟୀୟମାନେ ମଧ୍ୟ ତଳଭୂମିର ଓ ଯିହୁଦା-ଦକ୍ଷିଣାଞ୍ଚଳର ନଗରମାନ ଆକ୍ରମଣ କରି ବେଥ୍-ଶେମଶ ଓ ଅୟାଲୋନ୍‍ ଓ ଗଦେରୋତ୍‍, ପୁଣି ସୋଖୋ ଓ ତହିଁର ଉପନଗର, ତିମ୍ନା ଓ ତହିଁର ଉପନଗର, ଗିମ୍‍ସୋ ଓ ତହିଁର ଉପନଗରସକଳ ହସ୍ତଗତ କରି ସେଠାରେ ବାସ କରୁଥିଲେ।

19କାରଣ ଇସ୍ରାଏଲର ରାଜା ଆହସ୍‌ଙ୍କ ସକାଶୁ ସଦାପ୍ରଭୁ ଯିହୁଦାକୁ ଖର୍ବ କଲେ; ଯେଣୁ ସେ ଯିହୁଦା ମଧ୍ୟରେ ସ୍ୱେଚ୍ଛାଚାର କରି ସଦାପ୍ରଭୁଙ୍କ ବିରୁଦ୍ଧରେ ନିତାନ୍ତ ସତ୍ୟ-ଲଙ୍ଘନ କରିଥିଲେ।

20ଏଥିଉତ୍ତାରେ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷର ତାଙ୍କ ନିକଟକୁ ଆସିଲା, ମାତ୍ର ତାଙ୍କୁ ବଳ ନ ଦେଇ କ୍ଳେଶ ଦେଲା।

21କାରଣ ଆହସ୍‌ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ।

22ପୁଣି, ସେହି ଆହସ୍‌ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟ-ଲଙ୍ଘନ କଲେ।

23କାରଣ ଯେଉଁ ଦମ୍ମେଶକୀୟ ଦେବଗଣ ତାଙ୍କୁ ପରାସ୍ତ କରିଥିଲେ, ସେମାନଙ୍କ ଉଦ୍ଦେଶ୍ୟରେ ସେ ବଳିଦାନ କଲେ; ଆଉ ସେ କହିଲେ, ଅରାମୀୟ ରାଜାମାନଙ୍କ ଦେବଗଣ ସେମାନଙ୍କର ସାହାଯ୍ୟ କରିଅଛନ୍ତି, ଏହେତୁ ମୁଁ ସେମାନଙ୍କ ନିକଟରେ ବଳିଦାନ କରିବି, ତହିଁରେ ସେମାନେ ମୋହର ସାହାଯ୍ୟ କରିବେ। ମାତ୍ର ସେମାନେ ତାଙ୍କର ଓ ସମଗ୍ର ଇସ୍ରାଏଲର ବିନାଶର କାରଣ ହେଲେ।

24ଏଉତ୍ତାରେ ଆହସ୍‌ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।

25ଆହୁରି, ସେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଯିହୁଦାର ପ୍ରତ୍ୟେକ ନଗରରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ସଦାପ୍ରଭୁ ତାଙ୍କର ପିତୃଗଣଙ୍କର ପରମେଶ୍ୱରଙ୍କୁ ବିରକ୍ତ କଲେ।

26ତାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ଆଦ୍ୟନ୍ତସକଳ ଆଚରଣ, ଦେଖ, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ପୁସ୍ତକରେ ଲେଖାଅଛି।

27ଏଉତ୍ତାରେ ଆହସ୍‌ଙ୍କ ମୃତ୍ୟୁ ପରେ, ଲୋକମାନେ ଯିରୂଶାଲମରେ, ନଗର ମଧ୍ୟରେ ତାଙ୍କୁ କବର ଦେଲେ; କାରଣ ସେମାନେ ତାଙ୍କୁ ଇସ୍ରାଏଲର ରାଜାମାନଙ୍କ କବରକୁ ଆଣିଲେ ନାହିଁ; ତହିଁ ଉତ୍ତାରେ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର