Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଯିହୁଦାର ରାଜାଗଣ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଯିହୁଦାର ରାଜାଗଣ

ଯିହୁଦାର ରାଜା ଅମତ୍‍ସୀୟ

ଦ୍ଵି.ରା 14:1–20 · ଦ୍ଵି.ବଂ 25:1–28

ଦ୍ୱିତୀୟ ରାଜାବଳୀ

ଦ୍ଵି.ରା 14:1–20

1ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍‍ଙ୍କ ପୁତ୍ର ଅମତ୍‍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।

2ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

3ପୁଣି ଅମତ୍‍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍‍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ।

4ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।

5ଏଥିଉତ୍ତାରେ ତାଙ୍କ ହସ୍ତରେ ରାଜ୍ୟ ସ୍ଥିର ହେବା ମାତ୍ରେ ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।

6“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।

7ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।

8ସେହି ସମୟରେ ଅମତ୍‍ସୀୟ ବାର୍ତ୍ତାବାହକ ପଠାଇ ଯେହୂଙ୍କର ପୌତ୍ର ଯିହୋୟାହସ୍‍ଙ୍କ ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କୁ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”

9ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ ଦିଅ,’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।

10ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”

11ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ। ଏଣୁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦା-ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

12ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।

13ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।

14ପୁଣି ସେ ସଦାପ୍ରଭୁଙ୍କ ଗୃହରେ ଓ ରାଜଗୃହର ଭଣ୍ଡାରରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର, ମଧ୍ୟ ଲୋକମାନଙ୍କୁ ବନ୍ଧକ ରୂପେ ନେଇ ଶମରୀୟାକୁ ଫେରିଗଲେ।

15ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ ଓ ସେ ଯିହୁଦାର ରାଜା ଅମତ୍‍ସୀୟଙ୍କ ସଙ୍ଗେ କିପ୍ରକାରେ ଯୁଦ୍ଧ କଲେ, ଏସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

16ଏଥିଉତ୍ତାରେ ଯୋୟାଶ୍‍ ମୃତ୍ୟୁବରଣ କଲେ ଓ ଶମରୀୟାରେ ଇସ୍ରାଏଲ ରାଜାମାନଙ୍କ ସଙ୍ଗେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଯାରବୀୟାମ ତାଙ୍କ ପଦରେ ରାଜ୍ୟ କଲେ।

17ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

18ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

19ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍‍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

20ପୁଣି ସେମାନେ ଅଶ୍ୱମାନଙ୍କ ଉପରେ ରଖି ତାଙ୍କୁ ଆଣିଲେ ତହୁଁ ସେ ଯିରୂଶାଲମରେ ଆପଣା ପିତୃଗଣ ସହିତ ଦାଉଦ-ନଗରରେ କବର ପାଇଲେ।

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 25:1–28

1ଅମତ୍‍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍‍, ସେ ଯିରୂଶାଲମ ନିବାସିନୀ ଥିଲେ।

2ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।

3ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।

4ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।

5ଆହୁରି, ଅମତ୍‍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍‍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।

6ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।

7ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍‍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍‍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।

8ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”

9ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”

10ତହୁଁ ଅମତ୍‍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।

11ଏଉତ୍ତାରେ ଅମତ୍‍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।

12ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।

13ମାତ୍ର ଅମତ୍‍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।

14ଅମତ୍‍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।

15ଏହେତୁ ଅମତ୍‍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍‍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”

16ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”

17ଏଥିଉତ୍ତାରେ ଯିହୁଦାର ରାଜା ଅମତ୍‍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍‍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍‍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”

18ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।

19ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”

20ମାତ୍ର ଅମତ୍‍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।

21ତହୁଁ ଇସ୍ରାଏଲର ରାଜା ଯୋୟାଶ୍‍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍‍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।

22ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।

23ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।

24ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।

25ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

26ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

27ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

28ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର