Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶାଉଲ ଓ ଦାଉଦ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶାଉଲ ଓ ଦାଉଦ

ଉଦ୍ଧାର ପାଇଁ ଦାଉଦଙ୍କ ଗୀତ

ଦ୍ଵି.ଶା 22:1–51 · ଗୀତ 18:1–50

ଦ୍ୱିତୀୟ ଶାମୁୟେଲ

ଦ୍ଵି.ଶା 22:1–51

1ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;

2ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,

3ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।

4ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।

5କାରଣ ମୃତ୍ୟୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।

6ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।

7ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।

8ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।

9ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

10ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।

11ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।

12ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।

13ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।

14ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।

15ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।

16ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।

17ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।

18ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।

19ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।

20ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।

21ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।

22କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।

23ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।

24ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।

25ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।

26ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।

27ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।

28ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।

29ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।

30କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।

31ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।

32ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?

33ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।

34ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।

35ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।

36ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।

37ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।

38ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।

39ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।

40ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।

41ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।

42ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

43ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।

44ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।

45ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।

46ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।

47ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

48ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।

49ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।

50ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

51ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”

ଗୀତସଂହିତା

ଗୀତ 18:1–50

1ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।

2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।

3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି।

4ମୃତ୍ୟୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଲାବନ ମୋତେ ଭୟଗ୍ରସ୍ତ କଲା।

5ପାତାଳର ରଜ୍ଜୁସବୁ ମୋʼ ଚାରିଆଡ଼େ ଥିଲା; ମୃତ୍ୟୁର ଫାନ୍ଦ ମୋʼ ଉପରେ ପଡ଼ିଲା।

6ମୁଁ ଆପଣା ଦୁର୍ଦ୍ଦଶା ସମୟରେ ସଦାପ୍ରଭୁଙ୍କୁ ଡାକିଲି ଓ ମୋʼ ପରମେଶ୍ୱରଙ୍କ ନିକଟରେ ଆର୍ତ୍ତନାଦ କଲି; ସେ ଆପଣା ମନ୍ଦିରରୁ ମୋହର ରବ ଶୁଣିଲେ, ପୁଣି, ତାହାଙ୍କ ସମ୍ମୁଖରେ କୃତ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ପ୍ରବେଶ କଲା।

7ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।

8ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।

9ସେ ଆକାଶମଣ୍ଡଳକୁ ହିଁ ନୁଆଁଇ ତଳକୁ ଆସିଲେ; ଆଉ, ତାହାଙ୍କ ପାଦ ତଳେ ଘୋର ଅନ୍ଧକାର ଥିଲା।

10ପୁଣି, ସେ କିରୂବ ଉପରେ ଆରୋହଣ କରି ଉଡ଼ିଲେ; ହଁ, ସେ ବାୟୁର ପକ୍ଷ ଉପରେ ବେଗରେ ଉଡ଼ିଲେ।

11ସେ ଅନ୍ଧକାରକୁ ଆପଣାର ଗୁପ୍ତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ଡଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ୱରୂପ କଲେ।

12ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ତାହାଙ୍କର ନିବିଡ଼ ମେଘମାଳ ଶିଳାବୃଷ୍ଟି ଓ ପ୍ରଜ୍ୱଳିତ ଅଙ୍ଗାର ନିର୍ଗତ କଲା।

13ସଦାପ୍ରଭୁ ମଧ୍ୟ ଆକାଶମଣ୍ଡଳରେ ବଜ୍ରନାଦ କଲେ ଓ ସର୍ବୋପରିସ୍ଥ ଆପଣା ରବ ଉଚ୍ଚାରଣ କଲେ।

14ଆଉ, ସେ ଆପଣା ତୀର ପ୍ରେରଣ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ହଁ, ଅନେକ ବିଜୁଳି ପଠାଇ ସେମାନଙ୍କୁ ବ୍ୟାକୁଳ କଲେ।

15ସେତେବେଳେ, ହେ ସଦାପ୍ରଭୋ, ତୁମ୍ଭ ତର୍ଜ୍ଜନରେ ଓ ନାସିକାର ପ୍ରଶ୍ୱାସ ବାୟୁରେ ଜଳରାଶିର ପ୍ରଣାଳୀ ପ୍ରକାଶିତ ହେଲା ଓ ଭୂମଣ୍ଡଳର ମୂଳସକଳ ଅନାବୃତ ହେଲା।

16ସେ ଊର୍ଦ୍ଧ୍ୱରୁ ହସ୍ତ ବିସ୍ତାର କରି ମୋତେ ଧରିଲେ; ସେ ଆପଣା ଜଳରାଶିରୁ ମୋତେ ଓଟାରି ଆଣିଲେ,

17ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ଉଦ୍ଧାର କଲେ, କାରଣ ସେମାନେ ମୋʼ ଅପେକ୍ଷା ଅତି ପରାକ୍ରାନ୍ତ ଥିଲେ।

18ସେମାନେ ମୋହର ବିପଦ ଦିନରେ ମୋତେ ଆକ୍ରମଣ କଲେ; ମାତ୍ର ସଦାପ୍ରଭୁ ମୋତେ ଉଦ୍ଧାର କଲେ।

19ମଧ୍ୟ ସେ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ଆଣିଲେ; ସେ ମୋʼ ଠାରେ ସନ୍ତୁଷ୍ଟ ହେବାରୁ ମୋତେ ଉଦ୍ଧାର କଲେ।

20ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।

21କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।

22ଆଉ, ତାହାଙ୍କ ଶାସନସବୁ ମୋʼ ସମ୍ମୁଖରେ ଥିଲା, ପୁଣି, ମୁଁ ତାହାଙ୍କ ବିଧିସବୁ ଆପଣାଠାରୁ ଦୂର କଲି ନାହିଁ।

23ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।

24ଏହେତୁ ସଦାପ୍ରଭୁ ମୋର ଧର୍ମାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋʼ ହସ୍ତର ଶୌଚାନୁସାରେ ମୋତେ ଫଳ ଦେଇଅଛନ୍ତି।

25ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;

26ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;

27କାରଣ ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ତ୍ରାଣ କରିବ; ମାତ୍ର ଦାମ୍ଭିକ ଚକ୍ଷୁକୁ ତୁମ୍ଭେ ନତ କରିବ।

28ଯେଣୁ ତୁମ୍ଭେ ମୋʼ ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋʼ ପରମେଶ୍ୱର ମୋʼ ଅନ୍ଧକାରକୁ ଆଲୁଅମୟ କରିବେ।

29କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।

30ପରମେଶ୍ୱରଙ୍କ ପଥ ସିଦ୍ଧ; ସଦାପ୍ରଭୁଙ୍କ ବାକ୍ୟ ସୁପରୀକ୍ଷିତ; ସେ ଆପଣା ଶରଣାଗତ ସମସ୍ତଙ୍କର ଢାଲ।

31କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ?

32ସେହି ପରମେଶ୍ୱର ବଳ ଦେଇ ମୋହର କଟି ବାନ୍ଧନ୍ତି ଓ ମୋହର ପଥ ସିଦ୍ଧ କରନ୍ତି।

33ସେ ମୋହର ଚରଣକୁ ହରିଣୀର ଚରଣ ପରି କରନ୍ତି ଓ ମୋତେ ମୋʼ ଉଚ୍ଚସ୍ଥଳୀରେ ସ୍ଥାପନ କରନ୍ତି।

34ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତେଣୁ ମୋʼ ବାହୁ ପିତ୍ତଳ ଧନୁ ନୁଆଁଏ।

35ତୁମ୍ଭେ ମଧ୍ୟ ଆପଣା ପରିତ୍ରାଣର ଢାଲ ମୋତେ ଦେଇଅଛ; ଆଉ, ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖିଅଛି ଓ ତୁମ୍ଭର ନମ୍ରତା ମୋତେ ବୃଦ୍ଧିପ୍ରାପ୍ତ କରିଅଛି।

36ତୁମ୍ଭେ ମୋʼ ପାଦ ପକାଇବାର ସ୍ଥାନ ପ୍ରଶସ୍ତ କରିଅଛ ଓ ମୋʼ ପାଦ ଖସି ଯାଇ ନାହିଁ।

37ମୁଁ ଆପଣା ଶତ୍ରୁମାନଙ୍କ ପଛେ ଗୋଡ଼ାଇ ସେମାନଙ୍କୁ ଧରିବି; କିଅବା ସେମାନେ ସଂହାରିତ ନୋହିବା ଯାଏ ମୁଁ ଫେରି ଆସିବି ନାହିଁ।

38ମୁଁ ସେମାନଙ୍କୁ ଏପରି ଆଘାତ କରିବି ଯେ, ସେମାନେ ଆଉ ଉଠି ପାରିବେ ନାହିଁ; ସେମାନେ ମୋʼ ପଦ ତଳେ ପତିତ ହେବେ।

39କାରଣ ତୁମ୍ଭେ ବଳ ଦେଇ ଯୁଦ୍ଧାର୍ଥେ ମୋʼ କଟି ବାନ୍ଧିଅଛ; ମୋʼ ବିରୁଦ୍ଧରେ ଯେଉଁମାନେ ଉଠିଲେ, ସେମାନଙ୍କୁ ତୁମ୍ଭେ ମୋହର ବଶୀଭୂତ କରିଅଛ।

40ମଧ୍ୟ ତୁମ୍ଭେ ମୋʼ ଶତ୍ରୁମାନଙ୍କୁ ମୋʼ ନିକଟରୁ ଫେରାଇ ଦେଇଅଛ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କରିଅଛି।

41ସେମାନେ ଡାକ ପକାଇଲେ, ମାତ୍ର ଉଦ୍ଧାର କରିବାକୁ କେହି ନ ଥିଲା, ସଦାପ୍ରଭୁଙ୍କୁ ହିଁ ଡାକିଲେ, ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।

42ସେତେବେଳେ ମୁଁ ବାୟୁ ସମ୍ମୁଖସ୍ଥ ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି; ମୁଁ ସେମାନଙ୍କୁ ବାଟର କାଦୁଅ ପରି ପକାଇଦେଲି।

43ତୁମ୍ଭେ ଲୋକମାନଙ୍କ ବିବାଦରୁ ମୋତେ ଉଦ୍ଧାର କରିଅଛ; ତୁମ୍ଭେ ମୋତେ ଗୋଷ୍ଠୀସମୂହର ମସ୍ତକ ସ୍ୱରୂପ କରିଅଛ; ମୋହର ଅପରିଚିତ ଗୋଷ୍ଠୀ ମୋହର ସେବା କରିବେ।

44ସେମାନେ ମୋର ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।

45ବିଦେଶୀୟମାନେ ମ୍ଳାନ ହୋଇଯିବେ ଓ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିବେ।

46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।

47ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।

48ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।

49ଏହେତୁ, ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।

50ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର