Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ରାଜାବଳୀ ଓ ବଂଶାବଳୀ › ଶଲୋମନ

ପାଖାପାଖି ରାଜାବଳୀ ଓ ବଂଶାବଳୀ · ଶଲୋମନ

ମନ୍ଦିର ପ୍ରତିଷ୍ଠା ସମୟରେ ଶଲୋମନଙ୍କ ପ୍ରାର୍ଥନା

ପ୍ର.ରା 8:22–53 · ଦ୍ଵି.ବଂ 6:12–42

ପ୍ରଥମ ରାଜାବଳୀ

ପ୍ର.ରା 8:22–53

22ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;

23“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ଉପରିସ୍ଥ ସ୍ୱର୍ଗରେ କିଅବା ନୀଚସ୍ଥ ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;

24ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି, ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।

25ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ‘ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ସେହିପରି ତୁମ୍ଭର ସନ୍ତାନମାନେ ଯେବେ ଆମ୍ଭ ସମ୍ମୁଖରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ଏହି ପ୍ରତିଜ୍ଞା ଏବେ ସଫଳ କର।’

26ଏହେତୁ ହେ ଇସ୍ରାଏଲର ପରମେଶ୍ୱର, ମୁଁ ବିନୟ କରୁଅଛି, ତୁମ୍ଭ ଦାସ ମୋʼ ପିତା ଦାଉଦଙ୍କ ପ୍ରତି ଯେଉଁ ବାକ୍ୟ କହିଅଛ, ତାହା ଦୃଢ଼ ହେଉ।

27ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?

28ତଥାପି, ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

29ପୁଣି, ଯେଉଁ ସ୍ଥାନ ବିଷୟରେ ତୁମ୍ଭେ କହିଅଛ, ‘ଏହିଠାରେ ଆମ୍ଭ ନାମ ରହିବ,’ ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।

30ପୁଣି, ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଶୁଣି କ୍ଷମା କର।

31କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,

32ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମର ଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ତାହାକୁ ଦୋଷୀ କର; ପୁଣି, ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।

33ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ସେମାନେ ତୁମ୍ଭ ପ୍ରତି ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି,

34ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର ଓ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।

35ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ, ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି,

36ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି, ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

37ଯେବେ ଦେଶରେ ଦୁର୍ଭିକ୍ଷ ହୁଏ, ଯେବେ ମହାମାରୀ ହୁଏ, ଯେବେ ଶସ୍ୟର କ୍ଷୟ କି ମ୍ଳାନି, ପଙ୍ଗପାଳ ବା କୀଟ ହୁଏ; ଯେବେ ସେମାନଙ୍କ ଶତ୍ରୁ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରେ; କୌଣସି ମାରୀ ହୁଏ; କୌଣସି ରୋଗ ଘଟେ;

38ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;

39ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;

40ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ସେମାନେ ତୁମ୍ଭଙ୍କୁ ଭୟ କରିବେ।

41ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;

42କାରଣ, ବିଦେଶୀମାନେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁର କଥା ଅବଶ୍ୟ ଶୁଣିବେ; ଏପରି ଲୋକ ଆସି ଯେବେ ଏହି ଗୃହ ଆଡ଼େ ପ୍ରାର୍ଥନା କରେ,

43ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।

44ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ ଯେବେ ସେମାନେ ଆପଣା ଶତ୍ରୁ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋ ନିର୍ମିତ ଏହି ଗୃହ ଆଡ଼େ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ,

45ତେବେ, ତୁମ୍ଭେ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କ ବିଚାର ନିଷ୍ପତ୍ତି କର।

46ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁ ଦେଶକୁ ନେଇଯାʼନ୍ତି;

47ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;’

48ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,

49ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କ ବିଚାର ନିଷ୍ପତ୍ତି କର;

50ପୁଣି, ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ ଓ ତୁମ୍ଭ ବିରୁଦ୍ଧରେ କୃତ ସେମାନଙ୍କର ସମସ୍ତ ଅଧର୍ମ କ୍ଷମା କର; ପୁଣି, ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନେ ଯେପରି ଦୟା କରିବେ, ଏଥିପାଇଁ ସେମାନଙ୍କ ଦୃଷ୍ଟିରେ ସେମାନଙ୍କୁ ଦୟାପାତ୍ର କର।

51କାରଣ, ସେମାନେ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ମିସରରୁ, ଲୌହ-ଅଗ୍ନିକୁଣ୍ଡ ମଧ୍ୟରୁ ଆଣିଅଛ;

52ତୁମ୍ଭ ଦାସର ବିନତି ପ୍ରତି ଓ ତୁମ୍ଭ ଲୋକ ଇସ୍ରାଏଲର ବିନତି ପ୍ରତି ତୁମ୍ଭର ଚକ୍ଷୁ ପ୍ରସନ୍ନ ଥାଉ ଓ ସେମାନେ ଯେକୌଣସି ସମୟରେ ତୁମ୍ଭକୁ ଡାକି ପ୍ରାର୍ଥନା କରନ୍ତି, ସେସମୟରେ ତାହା ଶୁଣ।

53କାରଣ, ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କ ହସ୍ତରେ ଯେପରି କହିଥିଲ, ତଦନୁସାରେ ତୁମ୍ଭେ ସେମାନଙ୍କୁ ଆପଣା ଅଧିକାର ଦେବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ମଧ୍ୟରୁ ପୃଥକ କରିଅଛ।”

ଦ୍ୱିତୀୟ ବଂଶାବଳୀ

ଦ୍ଵି.ବଂ 6:12–42

12ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;

13କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,

14“ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ସ୍ୱର୍ଗରେ କିଅବା ପୃଥିବୀରେ ତୁମ୍ଭ ତୁଲ୍ୟ ପରମେଶ୍ୱର କେହି ନାହିଁ; ତୁମ୍ଭର ଯେଉଁ ଦାସମାନେ ସର୍ବାନ୍ତଃକରଣ ସହିତ ତୁମ୍ଭ ସମ୍ମୁଖରେ ଗମନାଗମନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ପାଳନ କରିଥାଅ;

15ତୁମ୍ଭେ ଆପଣା ଦାସ ମୋʼ ପିତା ଦାଉଦଙ୍କୁ ଯାହା ପ୍ରତିଜ୍ଞା କରିଥିଲ, ତାହା ପାଳନ କରିଅଛ; ହଁ, ତୁମ୍ଭେ ଆପଣା ମୁଖରେ କହିଥିଲ, ପୁଣି ଆଜି ଆପଣା ହସ୍ତରେ ତାହା ସଫଳ କରିଅଛ।

16ତୁମ୍ଭେ ମୋʼ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, ତୁମ୍ଭେ ଆମ୍ଭ ସମ୍ମୁଖରେ ଯେପରି ଗମନାଗମନ କରିଅଛ, ‘ସେହିପରି ତୁମ୍ଭ ସନ୍ତାନମାନେ ଯେବେ ଆମ୍ଭ ବ୍ୟବସ୍ଥାନୁସାରେ ଗମନାଗମନ କରିବାକୁ ଆପଣା ଆପଣା ପଥରେ କେବଳ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବା ପାଇଁ ଆମ୍ଭ ଦୃଷ୍ଟିରେ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ; ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣାର ସେହି ପ୍ରତିଜ୍ଞା ସଫଳ କର।’

17ଏହେତୁ ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।

18ମାତ୍ର ପରମେଶ୍ୱର କʼଣ ପୃଥିବୀରେ ମନୁଷ୍ୟମାନଙ୍କ ସଙ୍ଗରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭଙ୍କୁ ଧାରଣ କରି ନ ପାରେ; ତେବେ ଆମ୍ଭ ନିର୍ମିତ ଏହି ଗୃହ କʼଣ ପାରିବ?

19ତଥାପି ହେ ସଦାପ୍ରଭୋ, ମୋର ପରମେଶ୍ୱର, ତୁମ୍ଭ ଦାସ ତୁମ୍ଭ ସମ୍ମୁଖରେ ଯେଉଁ କାକୂକ୍ତି ଓ ପ୍ରାର୍ଥନା ନିବେଦନ କରୁଅଛି, ତାହା ଶୁଣିବା ପାଇଁ ତୁମ୍ଭେ ଆପଣା ଦାସର ପ୍ରାର୍ଥନା ଓ ବିନତିରେ ମନୋଯୋଗ କର;

20ତୁମ୍ଭେ ଯେଉଁ ସ୍ଥାନରେ ଆପଣା ନାମ ସ୍ଥାପନ କରିବ ବୋଲି କହିଅଛ, ସେହି ସ୍ଥାନ, ଅର୍ଥାତ୍‍, ଏହି ଗୃହ ପ୍ରତି ତୁମ୍ଭର ଚକ୍ଷୁ ଦିବାରାତ୍ର ମୁକ୍ତ ଥାଉ; ଏହି ସ୍ଥାନ ଅଭିମୁଖରେ ତୁମ୍ଭର ଦାସ ଯାହା ପ୍ରାର୍ଥନା କରିବ, ତାହା ଶୁଣ।

21ପୁଣି ଏହି ସ୍ଥାନ ଅଭିମୁଖରେ ତୁମ୍ଭ ଦାସ ଓ ତୁମ୍ଭ ଲୋକ ଇସ୍ରାଏଲ ପ୍ରାର୍ଥନା କଲେ, ତୁମ୍ଭେ ସେମାନଙ୍କ ବିନତିରେ ମନୋଯୋଗ କର; ହଁ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ଶୁଣି କ୍ଷମା କର।

22କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;

23ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣି ନିଷ୍ପତ୍ତି କର ଓ ଆପଣା ଦାସମାନଙ୍କର ବିଚାର କରି ଦୋଷୀର କର୍ମଫଳ ତାହାର ନିଜ ମସ୍ତକରେ ବର୍ତ୍ତାଇବା ପାଇଁ ଦୋଷୀକୁ ପ୍ରତିଫଳ ଦିଅ; ପୁଣି ଧାର୍ମିକକୁ ତାହାର ଧାର୍ମିକତା ପ୍ରମାଣେ ଫଳ ଦେବା ପାଇଁ ଧାର୍ମିକ କର।

24ପୁଣି ତୁମ୍ଭ ଲୋକ ଇସ୍ରାଏଲ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଶତ୍ରୁ ସମ୍ମୁଖରେ ପରାସ୍ତ ହେଲେ ଯେବେ ପୁନର୍ବାର ଫେରି ତୁମ୍ଭ ନାମ ସ୍ୱୀକାର କରନ୍ତି ଓ ଏହି ଗୃହରେ ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରନ୍ତି;

25ତେବେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣ ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର, ପୁଣି ସେମାନଙ୍କୁ ଓ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ସେଠାକୁ ପୁନର୍ବାର ସେମାନଙ୍କୁ ଆଣ।

26ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରିବା ସକାଶୁ ଯେବେ ଆକାଶ ରୁଦ୍ଧ ହୋଇ ବୃଷ୍ଟି ନ ହୁଏ, ତେବେ ତୁମ୍ଭେ ସେମାନଙ୍କୁ କ୍ଳେଶ ଦେବା ବେଳେ, ଯେବେ ସେମାନେ ଏହି ସ୍ଥାନ ଅଭିମୁଖରେ ପ୍ରାର୍ଥନା କରନ୍ତି ଓ ତୁମ୍ଭ ନାମ ସ୍ୱୀକାର କରି ଆପଣା ଆପଣା ପାପରୁ ଫେରନ୍ତି;

27ତେବେ ତୁମ୍ଭେ ସ୍ୱର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କର ଗନ୍ତବ୍ୟ ସତ୍‍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କ ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।

28ଯଦି ଦେଶରେ ଦୁର୍ଭିକ୍ଷ ହୁଏ, କିମ୍ବା ମହାମାରୀ ହୁଏ, ଶସ୍ୟର ଶୋଷ କି ମ୍ଳାନି, କିଅବା ପଙ୍ଗପାଳ ବା କୀଟ ହୁଏ; କିମ୍ବା ଯଦି ସେମାନଙ୍କ ଶତ୍ରୁଗଣ ସେମାନଙ୍କ ଦେଶସ୍ଥ ନଗରସମୂହରେ ସେମାନଙ୍କୁ ଅବରୋଧ କରନ୍ତି; କୌଣସି ମାରୀ କି କୌଣସି ରୋଗ ଘଟେ;

29ତେବେ ଆପଣା ଆପଣା ପୀଡ଼ା ଓ ଦୁଃଖ ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ,

30ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶ୍ରବଣ କରି କ୍ଷମା କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ, କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ମନୁଷ୍ୟ-ସନ୍ତାନଗଣର ଅନ୍ତଃକରଣ ଜାଣୁଅଛ।

31ତାହାହେଲେ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ତହିଁରେ ସେମାନଙ୍କ ବସତିର ସମସ୍ତ ଦିନ ତୁମ୍ଭ ପଥରେ ଚାଲିବା ପାଇଁ ସେମାନେ ତୁମ୍ଭଙ୍କୁ ଭୟ କରିବେ।

32ଆହୁରି ଯେ ତୁମ୍ଭ ଇସ୍ରାଏଲ ଲୋକର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭର ମହାନାମ ଓ ତୁମ୍ଭର ବଳବାନ ହସ୍ତ ଓ ତୁମ୍ଭର ବିସ୍ତୀର୍ଣ୍ଣ ବାହୁ ସକାଶୁ ଦୂର ଦେଶରୁ ଆସେ ଓ ଆସି ଏହି ଗୃହ ଆଡ଼େ ପ୍ରାର୍ଥନା କରେ;

33ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।

34ତୁମ୍ଭେ ଆପଣା ଲୋକମାନଙ୍କୁ ଯେକୌଣସି ଆଡ଼େ ପଠାଇଲେ, ଯେବେ ସେମାନେ ଆପଣା ଶତ୍ରୁଗଣ ସଙ୍ଗେ ଯୁଦ୍ଧ କରିବାକୁ ବାହାରେ ଯାଇ ତୁମ୍ଭର ମନୋନୀତ ଏହି ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଏହି ଗୃହ ଆଡ଼େ ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,

35ତେବେ ତୁମ୍ଭେ ସ୍ୱର୍ଗରୁ ସେମାନଙ୍କର ପ୍ରାର୍ଥନା ଓ ବିନତି ଶୁଣି ସେମାନଙ୍କର ବିଚାର ନିଷ୍ପତ୍ତି କର।

36ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି (କାରଣ ଏପରି କୌଣସି ମନୁଷ୍ୟ ନାହିଁ ଯେ ପାପ କରେ ନାହିଁ), ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁର ହସ୍ତରେ ସମର୍ପଣ କଲେ, ଯେବେ ସେମାନେ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ କିମ୍ବା ନିକଟସ୍ଥ ଦେଶକୁ ନେଇଯାʼନ୍ତି;

37ତଥାପି ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ପୁନର୍ବାର ଫେରନ୍ତି ଓ ଆପଣାମାନଙ୍କ ବନ୍ଦୀତ୍ୱ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ‘ଆମ୍ଭେମାନେ ପାପ କରିଅଛୁ ଓ ବିପଥଗାମୀ ଓ ଦୁଷ୍ଟପଣ କରିଅଛୁ;’

38ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;

39ତେବେ ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରୁ ସେମାନଙ୍କ ପ୍ରାର୍ଥନା ଓ ବିନତି ଶୁଣ ଓ ସେମାନଙ୍କର ବିଚାର ନିଷ୍ପତ୍ତି କର; ଆଉ ତୁମ୍ଭ ବିରୁଦ୍ଧରେ ପାପକାରୀ ଆପଣା ଲୋକମାନଙ୍କୁ କ୍ଷମା କର।

40ଏବେ, ହେ ମୋହର ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଓ ତୁମ୍ଭର କର୍ଣ୍ଣ ନିବିଷ୍ଟ ଥାଉ।

41ଏଣୁ ଏବେ, ହେ ସଦାପ୍ରଭୋ ପରମେଶ୍ୱର, ଉଠ, ତୁମ୍ଭେ ଓ ତୁମ୍ଭର ଶକ୍ତିରୂପ ସିନ୍ଦୁକ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର; ହେ ସଦାପ୍ରଭୋ ପରମେଶ୍ୱର, ତୁମ୍ଭର ଯାଜକମାନେ ପରିତ୍ରାଣରୂପ ବସ୍ତ୍ର ପରିଧାନ କରନ୍ତୁ ଓ ତୁମ୍ଭର ସାଧୁମାନେ ମଙ୍ଗଳରେ ଆନନ୍ଦ କରନ୍ତୁ।

42ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର