24:18ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।
24:19ଆଉ ସେ ଯିହୋୟାକୀମ୍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
24:20କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।
25:1ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
25:2ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
25:3ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
25:4ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
25:5ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
25:6ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
25:7ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
25:8ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
25:9ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
25:10ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
25:11ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
25:12ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
25:13ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
25:14ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
25:15ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
25:16ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
25:17ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
25:18ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
25:19ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
25:20ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
25:21ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।