ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଅକ୍ଟୋବର 2026
ଶନିବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା, 2“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ। 3‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି। 5ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି, 6ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।” 12ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ। 13ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ। 14ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍ପୁକ୍ ଦେଲା। 15ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା। 16ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା। 17ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।
ପ୍ରତିଉତ୍ତର ଗୀତ
ଗୀତ 119:66, 71, 75, 91, 125, 130
66ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି। 71ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା। 75ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ। 91ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ। 125ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ। 130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
ସୁସମାଚାର
17ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। 18କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି। 19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” 21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।” 22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।” 23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ। 24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର