Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 4

ଅର୍ଥୋଡକ୍ସ ପଞ୍ଜିକା · 21 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 4 ଅକ୍ଟୋବର 2026

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 18ତମ ରବିବାର

ଉତ୍ତୋଳନ ପର୍ବ ପରର ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ସପ୍ତମ ସୁସମାଚାର

ଯୋହ 20:1–10

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।

ପତ୍ର (କ୍ରୁଶର ଉତ୍ତୋଳନ ପରର ରବିବାର ପାଇଁ)

ଗାଲା 2:16–20

16ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ। 17କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ? ତାହା କେବେ ହେଁ ନ ହେଉ। 18କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି। 19ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି। 20ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼ ଠାରେ ଜୀବିତ ଅଛନ୍ତି; ପୁଣି, ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନଯାପନ କରୁଅଛି, ତାହା ବିଶ୍ୱାସରେ, ଅର୍ଥାତ୍‍, ଈଶ୍ବରଙ୍କ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ୱାସ କରି ଯାପନ କରୁଅଛି।

ପତ୍ର

ଦ୍ଵି.କରି 9:6–11

6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। 7ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। 8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, 9ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” 10ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; 11ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।

ସୁସମାଚାର (କ୍ରୁଶର ଉତ୍ତୋଳନ ପରର ରବିବାର ପାଇଁ)

ମାର୍କ 8:34–9:1

34ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ। 35କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ। 36ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ? 37ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ? 38ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।” 9:1ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।

ସୁସମାଚାର

ମାଥି 18:23–35

23ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। 24ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। 25କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ। 26ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା, ‘ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣକୁ ସବୁ ପରିଶୋଧ କରିଦେବି।’ 27ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ। 28କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। 29ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’ 30ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। 31ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ। 32ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି; 33ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’ 34ଆଉ, ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ। 35ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 21 ନାଗରିକ ପଞ୍ଜିକାର ଅକ୍ଟୋବର 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର