Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଅକ୍ଟୋବର 2026

ସୋମବାର · ସାଧାରଣ କାଳର 27ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 27ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଫଷ୍ଟିନା କୋୱାଲସ୍କା, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଗାଲା 1:6–12

6ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି; 7ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। 8କିନ୍ତୁ ଯେଉଁ ସୁସମାଚାର ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ, ଯଦି ଆମ୍ଭେମାନେ କିମ୍ବା ସ୍ୱର୍ଗରୁ ଦୂତ ହେଲେ ମଧ୍ୟ ତା ବ୍ୟତୀତ ଅନ୍ୟ ସୁସମାଚାର ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। 9ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। 10ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ। 11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ; 12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି।

ପ୍ରତିଉତ୍ତର ଗୀତ

ଗୀତ 111:1–2, 7–10

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ। 8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ। 9ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି; ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି; ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ। 10ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।

ସୁସମାଚାର

ଲୂକ 10:25–37

25ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 26ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?” 27ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। 28ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ।” 29କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ? 30ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, “ଜଣେ ଲୋକ ଯିରୂଶାଲମ ସହରରୁ ଯିରୀହୋକୁ ଯାଉ ଯାଉ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଲା। ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ। 31ଘଟଣା ପରେ-ପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ। 32ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ। 33କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ, 34ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ। 35ତହିଁ ଆରଦିନ ସେ ଦୁଇଟି ରୌପ୍ୟ-ମୁଦ୍ରା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ, ‘ଏହାର ସେବା କର, ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ, ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି।’” 36“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?” 37ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର