ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 9
ଅର୍ଥୋଡକ୍ସ ପଞ୍ଜିକା · 26 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 9 ଅକ୍ଟୋବର 2026
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Repose of the Holy Apostle and Evangelist John the Theologian († 98-117)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
21ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି, 22ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। 23ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା। 24ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ। 4:1ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। 2ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, 3ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି। 4ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ। 5ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ। 6କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
ସନ୍ଧ୍ୟା ପ୍ରାର୍ଥନା: ପାଠ
11ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍। 12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
20ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ। 21ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ। 5:1ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ। 2ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ। 3କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର (ସନ୍ଥ ଯୋହନଙ୍କ ପାଇଁ)
12କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି। 13ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି। 14ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ। 15ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। 16ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି। 17ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ। 18ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ। 19ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
ସୁସମାଚାର (ସନ୍ଥ ଯୋହନଙ୍କ ପାଇଁ)
25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ। 21:24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 26 ନାଗରିକ ପଞ୍ଜିକାର ଅକ୍ଟୋବର 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର