Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 11

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଅକ୍ଟୋବର 2026

ରବିବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଯିଶା 25:6–10

6ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ। 7ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ। 8ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। 9ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।” 10କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।

ପ୍ରତିଉତ୍ତର ଗୀତ

ଗୀତ 23:1–6

1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।

ଦ୍ୱିତୀୟ ପାଠ

ଫିଲି 4:12–14, 19–20

12ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି। 13ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ। 14ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ। 19ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ। 20ଆମ୍ଭମାନଙ୍କର ଈଶ୍ବର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍‍।

ସୁସମାଚାର

ମାଥି 22:1–14

1ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ, 2“ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, 3ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ। 4ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ‘ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇଅଛି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ,’ 5କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ, 6ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ। 7କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ। 8ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ। 9ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର। 10ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା। 11କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହ-ବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, 12ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା। 13ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ‘ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। 14କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର