Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 11

ଅର୍ଥୋଡକ୍ସ ପଞ୍ଜିକା · 28 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ଅକ୍ଟୋବର 2026

ରବିବାର · ସ୍ୱର 2

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 19ତମ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନାର ଅଷ୍ଟମ ସୁସମାଚାର

ଯୋହ 20:11–18

11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।

ପତ୍ର

ଦ୍ଵି.କରି 11:31–12:9

31ମୁଁ ଯେ ମିଥ୍ୟା କହୁ ନାହିଁ, ଏହା ପ୍ରଭୁ ଯୀଶୁଙ୍କ ଈଶ୍ବର ଓ ପିତା ଜାଣନ୍ତି; ସେ ଯୁଗେ ଯୁଗେ ଧନ୍ୟ। 32ଦମ୍ମେଶକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ, 33ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପ୍ରାଚୀର ଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାହାଙ୍କ ହସ୍ତରୁ ରକ୍ଷା ପାଇଲି। 12:1ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି। 2ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 3ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 4ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା। 5ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ। 6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। 7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। 8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। 9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

ପତ୍ର (ସନ୍ଥ ଖାରିଟୋନ୍‌ଙ୍କ ପାଇଁ)

ଦ୍ଵି.କରି 4:6–15

6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। 7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; 8ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; 9ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; 10ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। 11କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। 12ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି। 13“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; 14କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ। 15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।

ସୁସମାଚାର

ଲୂକ 5:1–11

1ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। 3ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। 4ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।” 5ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି। 6ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। 7ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା। 8କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। 9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।” 11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।

ସୁସମାଚାର (ସନ୍ଥ ଖାରିଟୋନ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 28 ନାଗରିକ ପଞ୍ଜିକାର ଅକ୍ଟୋବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର