Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 14

ଅର୍ଥୋଡକ୍ସ ପଞ୍ଜିକା · 1 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 14 ଅକ୍ଟୋବର 2026

ବୁଧବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Protection of Our Most Holy Lady Theotokos and Ever-Virgin Mary

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ଆଦି 28:10–17

10ଏଥିଉତ୍ତାରେ ଯାକୁବ ବେର୍‍ଶେବାରୁ ବାହାରି ହାରଣ ଆଡ଼କୁ ଯାତ୍ରା କଲା। 11ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା। 12ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି। 13ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା। 14ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ। 15ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।” 16ଏଥିଉତ୍ତାରେ ନିଦ୍ରା ଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।” 17ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”

ସନ୍ଧ୍ୟା ପ୍ରାର୍ଥନା: ପାଠ

ଯିହି 43:27–44:4

27ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” 44:1ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା। 2ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ। 3କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।” 4ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 9:1–11

1ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି; 2ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି। 3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, 4“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ, 5“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର। 6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।” 7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ। 8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। 9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ। 10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ। 11ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ଲୂକ 1:39–49, 56

39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।

ପତ୍ର (ଈଶ୍ବରଜନନୀଙ୍କ ସୁରକ୍ଷା ପାଇଁ)

ଏବ୍ରୀ 9:1–7

1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା। 2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। 3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି; 4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା, 5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। 6ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, 7କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।

ସୁସମାଚାର (ଈଶ୍ବରଜନନୀଙ୍କ ସୁରକ୍ଷା ପାଇଁ)

ଲୂକ 10:38–42; 11:27–28

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 1 ନାଗରିକ ପଞ୍ଜିକାର ଅକ୍ଟୋବର 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର