ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଅକ୍ଟୋବର 2026
ସୋମବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ସପ୍ତାହର ସୋମବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
କ୍ରୁଶର ସନ୍ଥ ପଲ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ଜନ୍ ଡି ବ୍ରେବଫ୍ ଓ ଆଇଜାକ୍ ଜୋଗ୍ସ, ପୁରୋହିତ, ଓ ସାଥୀମାନେ, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି, 2ଅର୍ଥାତ୍ ଯେଉଁ ଜଗତ୍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; 3ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; 4ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, 5ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, 6ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, 7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି। 8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ, 9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ। 10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
ପ୍ରତିଉତ୍ତର ଗୀତ
1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। 2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ। 3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ। 4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର। 5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ସୁସମାଚାର
13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ। 14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?” 15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।” 16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। 17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। 18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, 19ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; 20କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ? 21ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
ଆଜିର ସନ୍ଥ
- କ୍ରୁଶର ସନ୍ଥ ପଲ୍, ପୁରୋହିତ
- ସନ୍ଥ ଜନ୍ ଡି ବ୍ରେବଫ୍ ଓ ଆଇଜାକ୍ ଜୋଗ୍ସ, ପୁରୋହିତ, ଓ ସାଥୀମାନେ, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର