ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 31
ଅର୍ଥୋଡକ୍ସ ପଞ୍ଜିକା · 18 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 31 ଅକ୍ଟୋବର 2026
ଶନିବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Holy Apostle and Evangelist Luke (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ। 2ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ। 3ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି। 4ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ। 5ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ। 6ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ। 7କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର। 2ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ, 3ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର; ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ, ଏହା ତ ଜାଣିଅଛ। 4ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ। 5କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ। 6କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ। 7ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ; 8ସେ ତ ଦ୍ୱିମନା ଲୋକ, ଆପଣାର ସମସ୍ତ ଗତିରେ ଅସ୍ଥିର। 9ଦୀନ ଅବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ, 10ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। 11ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ। 12ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। 2ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ। 3ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି। 4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି। 5ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ। 6ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। 7ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। 17କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର; 18ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। 19ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ। 20କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, 21ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। 22ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର। 23ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର। 24ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ, 25ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର
1କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ। 2ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ; 3ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ। 4କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ। 5ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି। 6ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ। 7(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ), 8ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ। 9ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା। 10କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।
ପତ୍ର (ସନ୍ଥ ଲୂକଙ୍କ ପାଇଁ)
5ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। 6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। 7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; 8ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। 9ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ। 14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 18ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
ସୁସମାଚାର
1ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ। 2କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ? 4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।” 5ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।” 6ସେ ଆଉ ଏକ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ; ସେଠାରେ ଜଣେ ଲୋକ ଥିଲା, ତାହାର ଡାହାଣ ହାତ ଶୁଖିଯାଇଥିଲା। 7ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି। 8କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା। 9ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?” 10ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।
ସୁସମାଚାର (ସନ୍ଥ ଲୂକଙ୍କ ପାଇଁ)
16ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ। 17ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ, ପ୍ରଭୁ, ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି। 18କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି। 19ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ। 20ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖାଅଛି, ଏଥିରେ ଆନନ୍ଦ କର।” 21ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, “ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥିନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 18 ନାଗରିକ ପଞ୍ଜିକାର ଅକ୍ଟୋବର 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର