Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 1

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 1 ନଭେମ୍ବର 2026

ରବିବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସମସ୍ତ ସନ୍ଥ

ମହାପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ପ୍ରକା 7:2–4, 9–14

2ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, 3ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। 4ତାହା ପରେ ମୁଦ୍ରାଙ୍କିତ ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି, ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ବଂଶ ମଧ୍ୟରୁ ଏକ ଲକ୍ଷ ଚଉରାଳିଶ ହଜାର ଲୋକ ମୁଦ୍ରାଙ୍କିତ ହେଲେ, 9ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି; 10ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।” 11ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି, 12“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।” 13ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି? 14ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।

ପ୍ରତିଉତ୍ତର ଗୀତ

ଗୀତ 24:1–6

1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]

ଦ୍ୱିତୀୟ ପାଠ

ପ୍ର. ଯୋହ 3:1–3

1ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା। 2ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା। 3ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।

ସୁସମାଚାର

ମାଥି 5:1–12

1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। 6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। 8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ। 9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। 10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର