ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 1
ଅର୍ଥୋଡକ୍ସ ପଞ୍ଜିକା · 19 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ନଭେମ୍ବର 2026
ରବିବାର · ସ୍ୱର 5
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 22ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର 11ତମ ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର
11ଦେଖ, କିପରି ବଡ଼ ବଡ଼ ଅକ୍ଷରରେ ମୋହର ନିଜ ହସ୍ତରେ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଅଛି। 12ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି। 13କାରଣ ଯେଉଁମାନେ ସୁନ୍ନତ ବିଧି ସମର୍ଥନ କରନ୍ତି, ସେମାନେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରନ୍ତି ନାହିଁ, ବରଂ ସେମାନେ ଯେପରି ତୁମ୍ଭମାନଙ୍କ ଶରୀର ସମ୍ବନ୍ଧରେ ଗର୍ବ କରିପାରନ୍ତି, ଏଥିପାଇଁ ସେମାନେ ତୁମ୍ଭମାନଙ୍କୁ ସୁନ୍ନତ କରାଇବାକୁ ଇଚ୍ଛା କରନ୍ତି। 14କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି। 15କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର। 16ଆଉ, ଯେତେ ଲୋକ ଏହି ନିୟମାନୁସାରେ ଆଚରଣ କରନ୍ତି, ସେମାନଙ୍କ ଉପରେ ଓ ଈଶ୍ବରଙ୍କର ଇସ୍ରାଏଲ ଉପରେ ଶାନ୍ତି ଓ ଦୟା ବର୍ତ୍ତୁ। 17ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି। 18ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍।
ସୁସମାଚାର
5“ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା। ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି, ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ। 6ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା। 7ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି, କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା। 8ଅନ୍ୟ କେତେକ ଭଲ ଭୂମିରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା।” ସେ ଏହା କହୁ କହୁ ଉଚ୍ଚସ୍ୱରରେ କହିଲେ, “ଯାହାର ଶୁଣିବା ପାଇଁ କାନ ଅଛି, ସେ ଶୁଣୁ।” 9ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଅଣ ବୋଲି ପଚାରିବାକୁ ଲାଗିଲେ। 10ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’” 11“ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ବରଙ୍କ ବାକ୍ୟ, 12ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ। 13ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି। 14ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ। 15ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 19 ନାଗରିକ ପଞ୍ଜିକାର ନଭେମ୍ବର 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର