Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 5

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 5 ନଭେମ୍ବର 2026

ଗୁରୁବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 31ତମ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଫିଲି 3:3–8

3କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ। 4ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ; 5ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ, 6ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି। 7କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। 8ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

ପ୍ରତିଉତ୍ତର ଗୀତ

ଗୀତ 105:2–7

2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।

ସୁସମାଚାର

ଲୂକ 15:1–10

1ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ। 2ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ! 3ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, 4“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? 5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ, 6ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ 7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ-ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ।” 8“ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ରୌପ୍ୟ-ମୁଦ୍ରା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ? 9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’ 10ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର