Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 8

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 8 ନଭେମ୍ବର 2026

ରବିବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 32ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 63:1–7

1ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ। 2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି। 3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ। 4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ। 6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ। 7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।

ଦ୍ୱିତୀୟ ପାଠ

ପ୍ର.ଥେସ 4:13–18

13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ। 18ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।

ସୁସମାଚାର

ମାଥି 25:1–13

1“ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। 2ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। 3ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, 4ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। 5ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। 6କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାର’, ଏପରି କୋଳାହଳ ହେଲା। 7ସେତେବେଳେ କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। 8କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। 9ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ଯଦି ଆମେ ତୁମକୁ ଅଳ୍ପ ଦେବୁ, ତେବେ ତୁମଠାରେ ଓ ଆମଠାରେ ମଧ୍ୟ ଅଣ୍ଟିବ ନାହିଁ, ବରଂ ତୁମେ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ। 10କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା। 11ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇ ଦିଅନ୍ତୁ। 12କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ। 13ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର