Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 15

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 15 ନଭେମ୍ବର 2026

ରବିବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ହିତୋ 31:10–13, 19–20, 30–31

10ଗୁଣବତୀ ସ୍ତ୍ରୀ କିଏ ପାଇ ପାରେ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ। 11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ। 12ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ। 13ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ। 19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ। 20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ। 30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ। 31ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ।

ପ୍ରତିଉତ୍ତର ଗୀତ

ଗୀତ 128:1–5

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।

ଦ୍ୱିତୀୟ ପାଠ

ପ୍ର.ଥେସ 5:1–6

1କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ, 2କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ। 3ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ। 4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ, 5କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ; 6ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।

ସୁସମାଚାର

ମାଥି 25:14–30

14“ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ମଧ୍ୟ ସେହିପରି ଅଟେ। 15ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ। 16ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। 17ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା। 18ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। 19ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ। 20ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି। 21ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 22ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି। 23ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। 24ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। 25ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। 26କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ? 27ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି। 28‘ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ। 29କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 30ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର