Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 18

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 18 ନଭେମ୍ବର 2026

ବୁଧବାର · ସାଧାରଣ କାଳର 33ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 33ତମ ସପ୍ତାହର ବୁଧବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ପ୍ରେରିତ ସନ୍ଥ ପିତର ଓ ପାଉଲଙ୍କ ବାସିଲିକାର ଉତ୍ସର୍ଗ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ପ୍ରକା 4:1–11

1ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ଦ୍ୱାର ଉନ୍ମୁକ୍ତ; ପୁଣି, ତୂରୀଶବ୍ଦ ସଦୃଶ ମୋ ସହିତ କହୁଥିବା ଯେଉଁ ସ୍ୱର ମୁଁ ପୂର୍ବରେ ଶୁଣିଥିଲି; ତାହା କହିଲା, “ଏଠାକୁ ଉଠିଆସ; ଯାହାସବୁ ଏହାପରେ ଅବଶ୍ୟ ଘଟିବ, ସେହିସବୁ ଆମ୍ଭେ ତୁମ୍ଭକୁ ଦେଖାଇବା।” 2ସେହିକ୍ଷଣି ମୁଁ ଆତ୍ମାରେ ଆବିଷ୍ଟ ହେଲି, ଆଉ ଦେଖ, ସ୍ୱର୍ଗରେ ଗୋଟିଏ ସିଂହାସନ ସ୍ଥାପିତ ହୋଇଅଛି, ପୁଣି, ସିଂହାସନ ଉପରେ ଜଣେ ବସିଅଛନ୍ତି; 3ସେହି ବ୍ୟକ୍ତିଙ୍କ ରୂପ ହୀରା ଓ ମାଣିକ୍ୟ ସଦୃଶ, ଆଉ ସିଂହାସନ ଚତୁର୍ଦ୍ଦିଗରେ ଗୋଟିଏ ମେଘଧନୁ, ତାହା ମର୍କତ ମଣି ତୁଲ୍ୟ। 4ପୁଣି, ସିଂହାସନର ଚତୁର୍ଦ୍ଦିଗରେ ଚବିଶଟି ସିଂହାସନ ସ୍ଥାପିତ ଓ ସିଂହାସନଗୁଡ଼ିକ ଉପରେ ଚବିଶ ପ୍ରାଚୀନ ଉପବିଷ୍ଟ, ସେମାନେ ଶୁକ୍ଳ ବସ୍ତ୍ର ପରିହିତ ଓ ସେମାନଙ୍କ ମସ୍ତକ ଉପରେ ସୁବର୍ଣ୍ଣ ମୁକୁଟ। 5ସିଂହାସନ ମଧ୍ୟରୁ ବିଜୁଳି, ବିଭିନ୍ନ ସ୍ୱର ଓ ମେଘଗର୍ଜ୍ଜନ ନିର୍ଗତ ହେଉଅଛି, ଆଉ ସିଂହାସନ ସମ୍ମୁଖରେ ଅଗ୍ନିମୟ ସପ୍ତ ପ୍ରଦୀପ ଜଳୁଅଛି, ଏହି ସପ୍ତ ପ୍ରଦୀପ ଈଶ୍ବରଙ୍କ ସପ୍ତ ଆତ୍ମା। 6ସିଂହାସନ ସମ୍ମୁଖରେ ସ୍ଫଟିକ ପରି ସ୍ୱଚ୍ଛ ଏକ ସମୁଦ୍ର; ସିଂହାସନ ଚତୁର୍ଦ୍ଦିଗର ମଧ୍ୟସ୍ଥଳରେ ଚାରି ପ୍ରାଣୀ, ସେମାନଙ୍କର ଆଗ ଓ ପଛ ଚକ୍ଷୁରେ ପରିପୂର୍ଣ୍ଣ। 7ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ। 8ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।” 9ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି, 10ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି, 11“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”

ପ୍ରତିଉତ୍ତର ଗୀତ

ଗୀତ 150:1–6

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଲୂକ 19:11–28

11ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ। 12ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ। 13ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର। 14କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ। 15ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ। 16ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ଦଶଗୋଟି ମୋହର ଲାଭ କରିଅଛି। 17ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ। 18ପୁଣି, ଦ୍ୱିତୀୟ ଜଣକ ଆସି କହିଲା, ପ୍ରଭୁ, ଆପଣଙ୍କ ମୋହର ଆଉ ପାଞ୍ଚୋଟି ମୋହର ଲାଭ କରିଅଛି। 19ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ। 20ଆଉ ଜଣେ ଆସି କହିଲା, ପ୍ରଭୁ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି; 21କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି, ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି। 22ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି। ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି, ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ? 23ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି। 24ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ନେଇଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ। 25ସେଥିରେ ସେମାନେ ତାହାଙ୍କୁ କହିଲେ, ପ୍ରଭୁ, ତାହାର ତ ଦଶ ମୋହର ଅଛି। 26‘ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଅଧିକ ଦିଆଯିବ। କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। 27କିନ୍ତୁ ମୋହର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋହର ସାକ୍ଷାତରେ ହତ୍ୟା କର।’” 28ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର