ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 21
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 21 ନଭେମ୍ବର 2026
ଶନିବାର · ସାଧାରଣ କାଳର 33ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 33ତମ ସପ୍ତାହର ଶନିବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଧନ୍ୟା କୁମାରୀ ମରୀୟମଙ୍କ ମନ୍ଦିରରେ ଉତ୍ସର୍ଗ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
4ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ। 5କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ। 6ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ବନ୍ଦ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି, ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ୱାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି। 7ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ଡରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ। 8ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ। 9ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧି-ସ୍ଥାନରେ ରଖିବାକୁ ଦେବେ ନାହିଁ। 10ସେତେବେଳେ ପୃଥିବୀନିବାସୀମାନେ ସେମାନଙ୍କର ମୃତ୍ୟୁ-ସମ୍ବାଦ ଶୁଣି ଆନନ୍ଦ ଓ ଆମୋଦ ପ୍ରମୋଦ କରିବେ ପୁଣି, ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ। 11ସାଢ଼େ ତିନି ଦିନ ଉତ୍ତାରେ ଈଶ୍ବରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲେ, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ଅତ୍ୟନ୍ତ ଭୟଭୀତ ହେଲେ। 12ସେତେବେଳେ ସେମାନେ ଆକାଶରୁ ଉଚ୍ଚସ୍ୱରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ। ସେଥିରେ ସେମାନେ ମେଘାଚ୍ଛନ୍ନ ହୋଇ ସ୍ୱର୍ଗାରୋହଣ କଲେ, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। 2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି। 9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। 10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।
ସୁସମାଚାର
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, 28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 29ଆଚ୍ଛା, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 30ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ; 31ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ। 32ଶେଷରେ ସ୍ତ୍ରୀଟି ମଧ୍ୟ ମଲା। 33ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 34ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି, 35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ; 36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି। 37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି। 38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।” 39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ। 40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର